ରାଜ୍ୟ ସରକାରଙ୍କ ଐତିହାସିକ ପଦକ୍ଷେପ : ଏକା ଥରକେ ୬୧୩୧ ଶିକ୍ଷକଙ୍କୁ ନିଯୁକ୍ତି

17

ଏକା ଥରକରେ ନିଯୁକ୍ତି ପାଇଲେ ୬୧୩୧ ଜଣ ଶିକ୍ଷକ । ହାଇସ୍କୁଲ ଟ୍ରାନସଫରମେସନ କାର୍ଯ୍ୟକ୍ରମରେ ୧୦୭୫ଟି ସ୍କୁଲର ରୂପାନ୍ତର ପରେ ଆଉ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଆଜି ଏକାଥରକେ ୬୧୩୧ ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି । ଯାହା ରାଜ୍ୟ ନିଯୁକ୍ତି ଇତିହାସରେ ଏହା ଏକ ସର୍ବକାଳୀନ ରେକର୍ଡ । ମାତ୍ର ୪୭ ଦିନରେ ୬୧୩୧ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି । ସେମାନଙ୍କ ମଧ୍ୟରୁ ୨୨୩୬ ଜଣ ଆର୍ଟସ ଶିକ୍ଷକ, ୧୭୭୯ ଜଣ ବିଜ୍ଞାନ ଶିକ୍ଷକ, ୮୨୯ ଜଣ ହିନ୍ଦୀ ଶିକ୍ଷକ, ୭୯୬ ଜଣ ସଂସ୍କୃତ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି ।କଳିଙ୍ଗ ଷ୍ଟାଡିୟମରେ ଏହି ନିଯୁକ୍ତି ପତ୍ର ବଣ୍ଟନ କାର୍ଯ୍ୟକ୍ରମ ହେବ । ରାଜ୍ୟର ଶିକ୍ଷା ଇତିହାସରେ ଆଜି ଦିନଟି ସବୁବେଳେ ସ୍ମରଣୀୟ ହୋଇରହିବ ।

କଳିଙ୍ଗ ଷ୍ଟାଡିୟମରେ ନବ ନିଯୁକ୍ତ ଶିକ୍ଷକ-ଶିକ୍ଷୟତ୍ରୀ ମାନଙ୍କ ଓରିଏଣ୍ଟେସନ କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ହେଉଛି ସମାଜର ସାମୁହିକ ଆଶା ଓ ଆକାଂକ୍ଷାର ପ୍ରତିଫଳନ । ଶିକ୍ଷା ବ୍ୟବସ୍ଥାର ଆତ୍ମା ଭାବରେ ଶିକ୍ଷକ ମାନଙ୍କୁ ଅଭିହିତ କରି ଆମର ଭବିଷ୍ୟତ ପୀଢି ତଥା ନୂଆ ଓଡିଶା ଗଠନ ପାଇଁ ଆରମ୍ଭ ହୋଇଥିବା ଏହି ରୂପାନ୍ତରରେ ଶିକ୍ଷକ ମାନେ ସଫଳ ସହଯୋଗୀ ଭାବରେ ତାଙ୍କର ଦାୟିତ୍ବ ତୁଲାଇବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଥିଲେ ।

ସେହିପରି ମୁଖ୍ୟମନ୍ତ୍ରୀ କହିଥିଲେ କି ପିଲାମାନେ ହେଉଛନ୍ତି ଅନନ୍ତ ସମ୍ଭାବନାର ପ୍ରତୀକ । ସେମାନଙ୍କ ମଧ୍ୟରେ ନୂଆ ଆଶା ଜାଗ୍ରତ କରିବା, ସେମାନଙ୍କର କଳ୍ପନାକୁ ଶକ୍ତି ଦେବା ଏବଂ ଅଧ୍ୟୟନ ପ୍ରତି ଆଗ୍ରହ ସୃଷ୍ଟି କରିବାରେ ଶିକ୍ଷକମାନେ ହିଁ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି । ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ସୃଜନୀଶକ୍ତିର ବିକାଶ ତଥା ଆତ୍ମବିଶ୍ବାସ ବୃଦ୍ଧି ପାଇଁ କାମ କରିବାକୁ ମୁଖ୍ୟମନ୍ତ୍ରୀ ଶିକ୍ଷକ ମାନଙ୍କୁ ପରାମର୍ଶ ଦେଇଥିଲେ ।
ଏହି ଅବସରରେ ପୂର୍ବତନ ରାଷ୍ଟ୍ରପତି ଡଃ ଏ.ପି.ଜେ ଅବଦୁଲ କାଲାମଙ୍କ ବକ୍ତବ୍ୟକୁ ଉଦ୍ଧୃତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମାଜରେ ଶିକ୍ଷକ ମାନଙ୍କର ଭୂମିକା ଯେପରି ଗୁରୁତ୍ବପୂର୍ଣ୍ଣ, ପୃଥିବୀରେ ଅନ୍ୟ କୌଣସି ବୃତ୍ତି ସେଭଳି ଗୁରୁତ୍ବ ବହନ କରେ ନାହିଁ । ଏଯାଏଁ ୧୦୭୫ଟି ସ୍କୁଲର ରୂପାନ୍ତରଣ ପ୍ରଥମ ପର୍ଯ୍ୟାୟରେ ଶେଷ ହୋଇଥିବା ବେଳେ, ପର୍ଯ୍ୟାକ୍ରମେ ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ରୂପାନ୍ତର କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ତେଣୁ ଶିକ୍ଷକତା ପରି ଏକ ମହାନ ବୃତ୍ତିକୁ ଆପଣେଇ ଥିବାରୁ ମୁଖ୍ୟମନ୍ତ୍ରୀ ନବନିଯୁକ୍ତ ଶିକ୍ଷକ-ଶିକ୍ଷୟତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ , ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ମନ୍ତ୍ରୀ ଶ୍ରୀ ସମୀର ଦାଶ ପ୍ରମୁଖ ଯୋଗ ଦେଇ ଶିକ୍ଷା ବ୍ୟବସ୍ଥାରେ ରୂପାନ୍ତର ହି ନୂଆ ଓଡ଼ିଶାର ସ୍ବପ୍ନ ସାକାର କରିବ ଵୋଲି ମତ ଦେଇ ଥିଲେ ।

Leave A Reply

Your email address will not be published.