ଅକ୍ଷୟ ତୃତୀୟାରେ ଲୋକାର୍ପିତ ହେଲା ଶଙ୍ଖ ଭବନ

23

ଓଡ଼ିଶାବାସୀଙ୍କ ସେବାରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୨୩ ୨୪: ପବିତ୍ର ଅକ୍ଷୟ ତୃତୀୟାର ପବିତ୍ର ଅବସରରେ ଆଜି ଭୁବନେଶ୍ବର ଠାରେ ବିଜୁ ଜନତାଦଳର ମୁଖ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଓଡିଶାବାସୀଙ୍କ ସେବାରେ ଲୋକାର୍ପିତ କରିଛନ୍ତି ।

ଏହି ଅବସରରେ ଜୟ ଜଗନ୍ନାଥ ଧ୍ୱନିରେ ଭାଷଣ ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଶ୍ଵ ଦରବାରରେ ଓଡ଼ିଶାର ଇଷ୍ଟ ଦେବତା ଶ୍ରୀ ଜଗନ୍ନାଥଙ୍କ ମହାନ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଶଙ୍ଖ ଭବନ କାମ କରି ଚାଲିବ ଏବଂ ବସୁଧୈବ କୁଟୁମ୍ବକମର ବାର୍ତ୍ତା ପ୍ରଚାର କରିଚାଲିବ। ସେହିପରି ମୁଖ୍ୟମନ୍ତ୍ରୀ କହିଥିଲେ, ଓଡ଼ିଶାକୁ ଭଲ ପାଉଥିବା ଓଡିଶାର ବିକାଶ, ଓଡ଼ିଆ ସ୍ୱାଭିମାନର ସୁରକ୍ଷା, ତଥା ଏକ ନୂଆ ଓଡିଶା ଓ ସଶକ୍ତ ଓଡିଶା ଗଠନ ପାଇଁ କାମ କରିବାକୁ ଆଗ୍ରହୀ ସମସ୍ତଙ୍କର ମିଳନସ୍ଥଳୀ ହେବ ଶଙ୍ଖ ଭବନ । ଏହା ହେବ ସାଢେ ଚାରିକୋଟି ଓଡିଆଙ୍କ ସେବାରେ ସମର୍ପିତ ପ୍ରିୟ ଶଙ୍ଖ ଭବନ I

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୧୯୯୭ ବିଜୁ ବାବୁଙ୍କ ଆଦର୍ଶ, ସେବା, ସ୍ୱାଭିମାନ ଓ ସଂଗ୍ରାମର ମନ୍ତ୍ର ନେଇ ଏକ ଆଞ୍ଚଳିକ ଦଳ ଭାବରେ ଜନ୍ମ ନେଇଥିଲା ବିଜୁ ଜନତା ଦଳ I ଏହି ଦଳ ଓଡିଶାବାସୀଙ୍କ ସେବାରେ ରହି ଆଜି ଏକ ସାମାଜିକ ଆନ୍ଦୋଳନରେ ରୂପାନ୍ତରିତ ହୋଇଯାଇଛି । ଶଙ୍ଖ ଭବନ କେବଳ ଆମର ଭୌତିକ, ସାମାଜିକ, ଅର୍ଥନୈତିକ ସାଂସ୍କୃତିକ ଓ ରାଜନୈତିକ ଉନ୍ନତି ପାଇଁ ପ୍ରେରଣାର କେନ୍ଦ୍ର ହେବ ନାହିଁ, ଏହା ଜଗନ୍ନାଥ ସଂସ୍କୃତିର ମୂଳତତ୍ତ୍ଵ ଆଧାରରେ ଆମର ଆଧ୍ୟାତ୍ମିକ ଉତ୍ତରଣର କେନ୍ଦ୍ର ମଧ୍ୟ ହେବ।
ଏହାଛଡା ବିଜୁ ଜନତା ଦଳର ସଫଳତା ମନ୍ତ୍ର ଉପରେ ଆଲୋକପାତ କରି ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍ଥିରତା ଆମକୁ ସଫଳତା ଦେଇଛି। ସାଧୁତା ଆନନ୍ଦ ର ମାର୍ଗ ଖୋଲିଛି। ଶାନ୍ତି ଆମକୁ ସମୃଦ୍ଧି ଦେଇଛି ଏବଂ ପ୍ରଶାନ୍ତ ଚେତନା ରୂପାନ୍ତରଣରେ ସହାୟକ ହୋଇଛି।

ଶଙ୍ଖ ଭବନ ନିର୍ମାଣରେ ଅବଦାନ ରଖିଥିବା ଶ୍ରମିକଙ୍କ ଠାରୁ ଆରମ୍ଭ କରି ସ୍ଥପତି ପର୍ଯ୍ୟନ୍ତ ତଥା ଯୁବ , ଛାତ୍ର ,ମହିଳା କର୍ମୀ ଏବଂ ନେତା, ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଧନ୍ୟବାଦ ଜଣାଇଥିଲେ। ସେବାର ସଂସ୍କୃତିକୁ ଆଗକୁ ନେବା , ବିକାଶକୁ ଆଗକୁ ନେବା ,ଓଡିଶା ମା’ର ଗୌରବକୁ ଆହୁରି ଉଜ୍ଜଳ କରିବା ପାଇଁ ନିଜକୁ ସମର୍ପିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆହ୍ଵାନ ଜଣାଇଥିଲେ।

ସୂଚନା ଯୋଗ୍ୟ ଯେ ଶଙ୍ଖ ଭବନର ସମ୍ମିଳନୀ କକ୍ଷଗୁଡିକରେ ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳଗୌରବ ମଧୁସୂଦନ ଦାସ, ଆଦିକବି ସାରଳା ଦାସ, ବୀର ସୁରେନ୍ଦ୍ର ସାଏ , ବକ୍ସି ଜଗବନ୍ଧୁ, ଭୀମ ଭୋଇ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ,ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ସହିଦ୍ ଲକ୍ଷ୍ମଣ ନାୟକ ପଣ୍ଡିତ ରଘୁନାଥ ମୁର୍ମୁ, ବିର୍ସା ମୁଣ୍ଡା, ରେଣ୍ଡୋ ମାଝି , ଧରଣୀଧର ଭୂୟାଁ, ମା ରମାଦେବୀ , ପାର୍ବତୀ ଗିରି , ଫକୀମୋହନ ସେନାପତି , ଗଙ୍ଗାଧର ମେହେର , କୁନ୍ତଳାକୁମାରୀ ସାବତ ଓ ବାଜି ରାଉତଙ୍କ ପରି ବରପୁତ୍ରମାନଙ୍କ ଉକ୍ତି ଖୋଦିତ ହେବ। ଏହା ସହିତ ଏଠାରେ ମହାତ୍ମା ଗାନ୍ଧୀଙ୍କ ପ୍ରସିଦ୍ଧ Talisman (ତାବିଜ ) ଶୋଭା ପାଇବ ଏବଂ ଓଡ଼ିଶାର ୩୦ଟି ଜିଲ୍ଲାର ପ୍ରସିଦ୍ଧ ସାମଗ୍ରୀ ଓ ଶ୍ରେଷ୍ଠ କଳାକୃତି ମଧ୍ୟ ସ୍ଥାନ ପାଇବ।

ଶଙ୍ଖ ଭବନରେ ପ୍ରତି ସପ୍ତାହରେ ରକ୍ତ ଦାନ କାର୍ଯ୍ୟକ୍ରମ କରାଯିବ I ଏହା ସହିତ ଗରିବ ଲୋକଙ୍କ ବିବାହ ଓ ଅନ୍ୟ ସାମାଜିକ କାର୍ଯ୍ୟକ୍ରମ ମଧ୍ୟ ନିୟମିତ ଜାରି ରହିବ।

Comments are closed, but trackbacks and pingbacks are open.