ମାଲକାନଗିରିରେ ୨୫ କୋଟି ଟଙ୍କାର ୬ ପ୍ରକଳ୍ପ ଉଦଘାଟିତ

ଭୁବନେଶ୍ୱର: ମାଲକାନଗିରି ଜିଲ୍ଲା ପାଇଁ ୬ଟି ଗୁରୁତ୍ୱପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯାଇଛି । ଏହିସବୁ ପ୍ରକଳ୍ପଗୁଡ଼ିକ ଜିଲ୍ଲାର ସାମାଜିକ ଓ ଆର୍ôଥକ ବିକାଶକୁ ଆହୁରି ଆଗେଇ ନେବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି । ମଙ୍ଗଳବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ପ୍ରକଳ୍ପ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମାଲକାନଗିରି ସବୁବେଳେ ମୋ ପାଇଁ ସ୍ୱତନ୍ତ୍ର ହୋଇରହିଛି । ମାଲକାନଗିରିର ବିକାଶ କାମ ମୋତେ ସବୁଠାରୁ ଅଧିକ ଖୁସି ଦେଇଥାଏ । ମୋର ପୂର୍ଣ୍ଣ ବିଶ୍ୱାସ, ମାଲକାନଗିରିର ପରିଚୟ ଆଗକୁ ଆହୁରି ଉଜ୍ଜ୍ୱଳ ହେବ । ରାଜ୍ୟର ଏକ ଆଗୁଆ ଜିଲ୍ଲା ଭାବରେ ବିକାଶ ମାନଚିତ୍ରରେ ମାଲକାନଗିରି ନିଜର ସ୍ଥିତିକୁ ଆହୁରି ଦୃଢ଼ କରିବ । ଉଦ୍‌ଘାଟିତ ହୋଇଥିବା ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ରହିଛି ଅନ୍ୱେଷା କାର୍ଯ୍ୟକ୍ରମରେ ଶିକ୍ଷାଗ୍ରହଣ କରୁଥିବା ଅନୁସୂଚିତ ଜନଜାତି ଓ ଜାତି ପିଲାମାନଙ୍କ ପାଇଁ ଦୁଇଟି ହଷ୍ଟେଲ । ଏଥିରେ ୬୦୦ ପୁଅ ଓ ୬୦୦ ଝିଅ ରହିବା ପାଇଁ ବ୍ୟବସ୍ଥା କରାଯାଇଛି । ମୋଟୁ ଟ୍ରାଇ ଜଙ୍କସନ୍ସରେ ବିଜୁ ପଟ୍ଟନାୟକ ଅନ୍ତଃରାଜ୍ୟ ବସ୍ ଟର୍ମିନାଲ ହୋଇଛି । ଏହା ଜିଲ୍ଲା ସହିତ ଛତିଶଗଡ ଓ ଅନ୍ଧ୍ରପ୍ରଦେଶକୁ ଗମନାଗମନ ସୁଗମ କରିଛି । ଏହାସହିତ ମାଲକାନଗିରି ବଣ୍ଡା ଅଞ୍ଚଳକୁ ଯୋଡୁଥିବା ଏକ ଉଚ୍ଚସ୍ତରୀୟ ସେତୁ ଓ ବାଲିମେଳାଠାରେ ତମସା ନଦୀ ଉପରେ ବିଜୁ ସେତୁ, କ୍ରୀଡାର ବିକାଶ ପାଇଁ ଏକ ଜୁଡୋ ଏକାଡେମୀ ଓ ପିଲାମାନଙ୍କ ପାଇଁ ଏକ ସ୍ୱଧାର ଗୃହ ମଧ୍ୟ ଉଦ୍‌ଘାଟିତ ହୋଇଛି । ମୁଖ୍ୟମନ୍ତ୍ରୀ ମାଲକାନଗିରି ଜିଲ୍ଲାରେ ଦ୍ରୁତ ବିକାଶ କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରିଥିଲେ । ସେ କହିଥିଲେ ଯେ ମାଲକାନଗିରିବାସୀ ଆଜି ବିକାଶ ସହ ଯୋଡ଼ିହୋଇ ରହିଛନ୍ତି । ବିକାଶ କାମରେ ଜିଲ୍ଲାବାସୀଙ୍କ ସହଯୋଗ ସବୁବେଳେ ଆମକୁ ଉତ୍ସାହିତ କରି ଆସିଛି । ଜିଲ୍ଲାରେ ଶିକ୍ଷା ଓ ସଚେତନତା ପ୍ରସାର ଘଟିଛି । ଯୋଗାଯୋଗରେ ଉନ୍ନତି ଆସିଛି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଠାରୁ ଆରମ୍ଭ କରି ବିଭିନ୍ନ କଲ୍ୟାଣ ଯୋଜନାର ସୁଯୋଗ ଆପଣମାନେ ନେଉଥିବା ଖୁସିର କଥା । ମାଲକାନଗିରିର ସଫଳ ଚାଷୀ, ମିଶନଶକ୍ତିର ମା’ମାନେ, ଛାତ୍ରଛାତ୍ରୀ, ଯୁବବର୍ଗ ଏ ସମସ୍ତଙ୍କ ସଫଳତା ଆଜି ଜିଲ୍ଲା ପାଇଁ ନୂଆ ପରିଚୟ ଆଣିଛି । ବଣ୍ଡା ଘାଟିର ଝିଅ କରମା ମୁଦୁଲି ଭୁବନେଶ୍ୱରର ସବୁଠାରୁ ଭଲ ସରକାରୀ ମହିଳା ୟୁନିଭରସିଟିରେ ପାଠ ପଢୁଥିବାର ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ହିଁ ସୁଯୋଗ ଆଣିଥାଏ ଓ ଶିକ୍ଷା ହିଁ ଏ ରୂପାନ୍ତର ଆଣିଛି । ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ପାଠପଢ଼ି ନିଜ ପାଇଁ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହି ଅବସରରେ ଚିତ୍ରକୁଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ଟାଙ୍ଗଲୁ ପ୍ରମୁଖ ବକ୍ତବ୍ୟ ରଖି ମାଲକାନଗିରି ଜିଲ୍ଲାରେ ଦ୍ରୁତ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନେତୃତ୍ୱର ଉଚ୍ଚପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭିକେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ବୈଠକରେ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।