ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ବର: ଶେଷରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାର ପ୍ରଭାବରେ ଓଡିଶାର ୫ଦିନ ଯାଏ ଲଗାତର ବର୍ଷା ଜାରୀ ରହିବ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି। ଏହା ଲଘୁଚାପରେ ପରିଣତ ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ଆଡକୁ ଗତି କରିବ ବୋଲି ଜଣାପଡିଛି। ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟାରେ ୧୮ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ଅର୍ଥାତ୍ ୭ ରୁ ୧୧ ସେମି ବର୍ଷାର ଆଶଙ୍କା ରହିଛି। କିଛି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେଉଛି । ସକାଳୁ ଟୁଇନସିଟି ଭୁବନେଶ୍ବର ଓ କଟକରେ ଝିପିଝିପି ବର୍ଷା ହେଉଛି । ଆଗକୁ ଲଘୁଚାପ ପ୍ରଭାବରେ ବର୍ଷାର ପରିମାଣ ବଢିପାରେ । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଆଜି ବର୍ଷା ପାଇଁ ରାଜ୍ୟର ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼କୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଲଘୁଚାପ ପ୍ରଭାବରେ ସମୁଦ୍ରରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ଏଣୁ ମତ୍ସ୍ୟଜୀବୀ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ସମୁଦ୍ରରେ ରହିଥିଲେ ତୁରନ୍ତ ଫେରିଆସିବାକୁ ପରାମର୍ଶ ଦେଇଛନ୍ତି ଏସଆରସି ।