ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇ ଇତିହାସ ରଚିଛନ୍ତି ଦ୍ରୌପଦୀ ମୁର୍ମୁ। ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଭାରତର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ତାଙ୍କ ପାଖକୁ ଛୁଟୁଛି ଶୁଭେଚ୍ଛାର ସୁଅ ।
ଦ୍ରୌପଦୀଙ୍କ ଏହି ବିପୁଳ ବିଜୟ ପରେ ତାଙ୍କୁ ଫୋନ୍ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାବାସୀଙ୍କ ତରଫରୁ ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ନବୀନ। ଏଥିସହ ତାଙ୍କ ସଫଳତା ପାଇଁ ଓଡ଼ିଶାବାସୀ ବେଶ୍ ଗର୍ବିତ ବୋଲି ମଧ୍ୟ ସେ କହିଛନ୍ତି । ଭାରତର ନୂଆ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥି ଲାଗି ସେ ଆସନ୍ତା ୨୩ ତାରିଖରେ ଦିଲ୍ଲୀ ଗସ୍ତ କରିବେ । ୪ ଦିନିଆ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ କେତେଜଣ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରିବେ ବୋଲି ସୂଚନା ମିଳିଛି । ୨୫ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ।ଏହାପରେ ୨୬ ତାରିଖରେ ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିବେ । ମୁଖ୍ୟମନ୍ତ୍ରୀଙ୍କ ସହିତ ଅନ୍ୟ ବିଜେପି ଶାସିତ ମୁଖ୍ୟମନ୍ତ୍ରୀ ଏବଂ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ୱାଇ ଏସ. ଜଗନମୋହନ ରେଡ୍ଡି ମଧ୍ୟ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡିଛି ।