କ୍ୟାବିନେଟ୍ ମୋହର ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚୁକ୍ତିଭିତ୍ତିକ ନିଯୁକ୍ତିର ଯୁଗ ଶେଷ

ଭୁବନେଶ୍ୱର: ଚୁକ୍ତିଭିତ୍ତିକ ନିଯୁକ୍ତିର ଯୁଗ ଶେଷ ହୋଇଛି । ରାଜ୍ୟର ସବୁ ଚୁକ୍ତିଭିତ୍ତିକ କର୍ମଚାରୀ ନିୟମିତ ହେବେ । ପ୍ରାୟ ୫୭ ହଜାର କର୍ମଚାରୀ ସୁଫଳ ପାଇବେ । ଏଥିପାଇଁ ରାଜ୍ୟ ରାଜକୋଷରୁ ବାର୍ଷିକ ପ୍ରାୟ ୧୩ଶହ କୋଟି ଟଙ୍କା ଖର୍ଚ୍ଚ ହେବ । ଶନିବାର କ୍ୟାବିନେଟ୍ ବୈଠକ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆପଣମାନଙ୍କ ଆଶୀର୍ବାଦରେ ୨୦୦୦ରେ ମୁଁ ଓଡିଶା ମା’ର ସେବାର ସୁଯୋଗ ପାଇଥିଲି । ମହାବାତ୍ୟା ପର ସ୍ଥିତି ଓ ଦୁର୍ବଳ ଆର୍ôଥକ ଅବସ୍ଥା ମୋ ପାଇଁ ସବୁଠାରୁ ବଡ ଚ୍ୟାଲେଞ୍ଜ୍ ଥିଲା । ରାଜ୍ୟ ଓଭର ଡ୍ରାଫ୍ଟରେ ଚାଲୁଥିଲା । ନିତିଦିନ ଖର୍ଚ୍ଚ ପାଇଁ ସରକାରଙ୍କୁ ରିଜର୍ଭ ବ୍ୟାଙ୍କ୍ ଉପରେ ନିର୍ଭର କରିବାକୁ ପଡୁଥିଲା । ଓଡ଼ିିଶା ଅର୍ଥନୀତି ପାଇଁ ଏହା ଏକ କଳା ସମୟ ଥିଲା । ରାଜକୋଷ ଖାଲି ଥିଲା । ଅର୍ଥନୀତି ଉପରେ ବହୁତ ଚାପ ଥିଲା । ଶିକ୍ଷା, ସ୍ୱାସ୍ଥ୍ୟ, ଭିତ୍ତିଭୂମି, କୃଷି, ଜଳସେଚନ ଆଦି ବିଭିନ୍ନ କ୍ଷେତ୍ରରେ ଆମେ ବହୁତ ପଛୁଆ ଥିଲୁ । ବନ୍ୟା, ବାତ୍ୟା ଓ ମରୁଡ଼ି ଲାଗି ରହିଥିଲା । ଗରିବୀ ବହୁ ଅଧିକ ଥିଲା । ସୀମିତ ସମ୍ବଳ ଭିତରେ ଏସବୁ କ୍ଷେତ୍ରରେ ଉନ୍ନତି ଆଣିବା ଥିଲା ଆମ ପାଇଁ ସବୁଠାରୁ ବଡ଼ ପ୍ରାଥମିକତା । ସେତେବେଳେ ନିଯୁକ୍ତି ପୁରାପୁରି ବନ୍ଦ୍ ଥିଲା । ପଦବୀ ସବୁ ଉଚ୍ଛେଦ କରିବାକୁ ପଡୁଥିଲା । ଏହା ମୋ ପାଇଁ ବହୁତ କଷ୍ଟକର ଥିଲା । ମୋ ରାଜ୍ୟର ପିଲାମାନେ ନିଯୁକ୍ତି ନ ପାଇ ହଇରାଣ ହେଉଥିଲେ । ଏହା ମୋତେ ବହୁତ ଦୁଃଖ ଦେଉଥିଲା । ପ୍ରତିଦିନ ମୋ ମନରେ ଚିନ୍ତା ଥିଲା, କେବେ ପରିସ୍ଥିତିରେ ଉନ୍ନତି ଆସିବ ଏବଂ ଆମ ପିଲାମାନେ ରେଗୁଲାର ନିଯୁକ୍ତି ପାଇବେ । ଆପଣମାନଙ୍କର ସହଯୋଗ ଓ ମହାପ୍ରଭୁଙ୍କ ଆଶୀର୍ବାଦ ହିଁ ଆମର ସବୁଠାରୁ ବଡ଼ ଶକ୍ତି । ଉତ୍ତମ ଆର୍ôଥକ ପରିଚାଳନା ଓ ସୁଶାସନ ଜରିଆରେ ହିଁ ଧୀରେ ଧୀରେ ପରିସ୍ଥିତିରେ ଉନ୍ନତି ଆସିଲା । ୨୦୧୩ରୁ ଆମେ ଚୁକ୍ତିଭିତ୍ତିକ ନିଯୁକ୍ତି ଆରମ୍ଭ କଲୁ । ଏହା ମଧ୍ୟ ମୋ ପାଇଁ ଏକ କଷ୍ଟକର ନିଷ୍ପତ୍ତି ଥିଲା । ଏବେ ଆମ ଅର୍ଥନୀତିରେ ଉନ୍ନତି ଆସିଛି । ବିକାଶ କ୍ଷେତ୍ରରେ ଓଡ଼ିଶା ସାରା ଦେଶରେ ଏକ ନୂଆ ପରିଚୟ ସୃଷ୍ଟି କରିପାରିଛି । ଗତ ବର୍ଷ ଆମେ ଏହି ଚୁକ୍ତିଭିତ୍ତିକ ନିଯୁକ୍ତିକୁ ପରିବର୍ତ୍ତନ କରି ‘ଇନିସିଆଲ ଆପଏଣ୍ଟି’ କରିଥିଲୁ । ଏବେ ମୁଁ ଖୁସିର ସହ ଘୋଷଣା କରୁଛି ଯେ ରାଜ୍ୟ କ୍ୟାବିନେଟ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବ୍ୟସ୍ଥାକୁ ସବୁଦିନ ପାଇଁ ଉଚ୍ଛେଦ କରିବାକୁ ନିଷ୍ପତ୍ତି ନେଇଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦେଶର ଅନେକ ରାଜ୍ୟରେ ଏବେ ନିୟମିତ ନିଯୁକ୍ତି ବନ୍ଦ୍ ରହିଛି । ଚୁକ୍ତିଭିତ୍ତିକ ନିଯୁକ୍ତି ଚାଲିଛି । ଓଡ଼ିିଶାରେ ଚୁକ୍ତିଭିତ୍ତିକ ନିଯୁକ୍ତିର ଯୁଗ ଶେଷ ହେଲା । ସବୁ ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ ହେବ । ବହୁ ଦିନ ଧରି ଏ ସୁଦିନକୁ ମୁଁ ଅପେକ୍ଷା କରିଥିଲି । ରବିବାର ବିଜ୍ଞପ୍ତି ପ୍ରକାଶ ପାଇବ । ୫୭ ହଜାରରୁ ଅଧିକ କର୍ମଚାରୀ ନିୟମିତ ହେବେ । ଏଥିପାଇଁ ହାରାହାରି ବର୍ଷକୁ ୧୩୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ । ସେମାନଙ୍କ ପରିବାର ପାଇଁ ଏହା ଆଗୁଆ ଦୀପାବଳି ଆଣିଛି । ଆଜି ଓଡ଼ିଶା ଆତ୍ମବିଶ୍ୱାସର ସହ ଆଗକୁ ବଢୁଛି ଓ ସଶକ୍ତ ହେଉଛି । ଓଡ଼ିଶା ଇତିହାସର ଏହା ଏକ ସୁବର୍ଣ୍ଣ ମୂହୁର୍ତ୍ତ । ସରକାରୀ କର୍ମଚାରୀଙ୍କୁ ମୋର ଅନୁରୋଧ, ଆପଣମାନେ ସମସ୍ତେ ଭଲ କାମ କରନ୍ତୁ । ନିଷ୍ଠାର ସହ ଲୋକଙ୍କ ସେବା ୫-ଟି ନୀତି ଅନୁସାରେ କରନ୍ତୁ । ସରକାରଙ୍କ ପରିଚୟକୁ ଆହୁରି ଉଜ୍ଜ୍ୱଳ କରନ୍ତୁ ଏବଂ ଓଡ଼ିଶାର ରୂପାନ୍ତରରେ ନିଜର ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖନ୍ତୁ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି ।