ଭୁବନେଶ୍ୱର : ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଶୀତ। ଶୀତ ସହ ଘନ କୁହୁଡ଼ି କରିବ ଅସ୍ତବ୍ୟସ୍ତ। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଅନୁଭୁତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ତ୍ତମାନ ରାଜ୍ୟର ଆଭ୍ୟନ୍ତରୀଣ ଓଡ଼ିଶା ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ବରଗଡ଼, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଜିଲ୍ଲାରେ ସ୍ୱାଭାବିକ ଶୀତ ଅନୁଭୁତ ହେଉଛି। ସେହିପରି ଉପକୂଳ ଓଡ଼ିଶାର ଖୋର୍ଦ୍ଧା, କଟକ, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜରେ ବି ଜାଡ଼ ଅନୁଭୁତ ହେଉଛି। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ସେହିଭଳି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନ କୁହୁଡି ନେଇ ୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବିଶେଷକରି ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ସେହିଭଳି ଆଗାମୀ ୩ ଦିନ ପର୍ଯ୍ୟନ୍ତ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, କେନ୍ଦୁଝର ଏବଂ ଝାରସୁଗୁଡ଼ାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୁତ ହେବା ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର। ଗତ ୨୪ ଘଣ୍ଟା ମଧ୍ୟରେ ପାହାଡ଼ିଆ ଅଞ୍ଚଳ ଭାବରେ ଜି.ଉଦୟଗିରିରେ ୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବାବେଳେ ସମତଳ ଅଞ୍ଚଳ ଭାବରେ ଫୁଲବାଣୀରେ ୮ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସେହିଭଳି ସିମିଳିଗୁଡ଼ାରେ ୭.୬ ଡିଗ୍ରୀ, ଦାରିଙ୍ଗବାଡ଼ିରେ ୮, ଝାରସୁଗୁଡ଼ାରେ ୯.୭, ଅନୁଗୁଳୁରେ ୧୦, ରାଉରକେଲାରେ ୧୦.୫, କିରେଇରେ ୧୦.୬, ଭୁବନେଶ୍ୱରରେ ୧୨.୩ ଏବଂ କଟକରେ ୧୩ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।