ପୂର୍ବତନ ମନ୍ତ୍ରୀ ସମୀର ଦେ’ଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ
ଦାଦାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ନେହୀ ଓ ଦକ୍ଷ ନେତାଙ୍କୁ ହରାଇଲା
ଦାଦାଙ୍କ ପରିବାର ସଦସ୍ୟଙ୍କ ଠାରୁ ମିଳିଥିବା ସ୍ନେହ ଆଦର ଅଭୁଲା ରହିବ
ଭୁବନେଶ୍ୱର : ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ସମୀର ଦେ’ଙ୍କ ବିୟୋଗ ଖବର ଶୁଣି ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ଯେ ସମୀର ଦାଦାଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ଦାଦା ଜଣେ ମିଷ୍ଟଭାଷୀ ଓ ପରୋପକାରୀ ସ୍ୱଭାବର ବ୍ୟକ୍ତି ଥିଲେ । ତାଙ୍କୁ ସବୁବେଳେ ଭେଟିବା ସମୟରେ ତାଙ୍କର ପରିବାର ସଦସ୍ୟଙ୍କ ଠାରୁ ମିଳିଥିବା ସ୍ନେହ ଆଦର ଅଭୁଲା ରହିବ ।
ବିଜେପିର ପ୍ରାରମ୍ଭିକ ପ୍ରଗତି ସମୟରେ ଉପକୂଳ ଓଡ଼ିଶାରେ ଅଭ୍ୟୁଦୟର କେନ୍ଦ୍ରବିନ୍ଦୁ ଭାବେ କଟକ ସହରରୁ ଆମ ଦଳର ରାଷ୍ଟ୍ରବାଦୀ ବିଚାରକୁ ଜନପ୍ରିୟ କରାଇବାରେ ସେ ପ୍ରମୁଖ ଭୂମିକା ନେଇଥିଲେ । ବିଜେପି ଆଜି ରାଜ୍ୟରେ ଯେଉଁ ସେବା ଦାୟିତ୍ୱରେ ଅଛି, ସେ ଦିଗରେ ତାଙ୍କର ଯୋଗଦାନ ଥିଲା ଅତୁଳନୀୟ । ଦାଦାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ନେହୀ ଓ ଦକ୍ଷ ନେତାଙ୍କୁ ହରାଇଲା । ଜନପ୍ରତିନିଧି ଭାବେ ସେ ଯେଉଁ ଉନ୍ନତିମୂଳକ କାର୍ଯ୍ୟ କରିଯାଇଛନ୍ତି, ତାହା ସବୁଦିନ ପାଇଁ ସ୍ମରଣୀୟ ହୋଇରହିବ । ଶ୍ରୀ ପ୍ରଧାନ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।