ଭୁବନେଶ୍ବର: ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ଼ ଥାନା ଅଧୀନ ମୁଚବାହାଲ ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ତାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଏହି ଘଟଣା ପରେ ସମଗ୍ର ଅଞ୍ଚଳରେ ଭୟ ଓ ଉତ୍ତେଜନା ପ୍ରକାଶ ପାଇଛି। ସୂଚନା ଅନୁଯାୟୀ, ମୁଚବାହାଲ ଅଞ୍ଚଳରେ ଏକ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ବେଲପାହାଡ଼ ପୋଲିସକୁ ସୂଚନା ଦେଇଥିଲେ। ଖବର ପାଇ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି ଯେ, ଯୁବକଙ୍କୁ ଅନ୍ୟ କେଉଁଠି ହତ୍ୟା କରିବା ପରେ ପ୍ରମାଣ ନଷ୍ଟ ଉଦ୍ଦେଶ୍ୟରେ ମୃତଦେହକୁ ଏଠାରେ ଫିଙ୍ଗି ଦିଆଯାଇଛି। ତେବେ ମୃତ ଯୁବକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରି ନାହିଁ। ହତ୍ୟାକାଣ୍ଡର ପ୍ରକୃତ କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସ ବିଭିନ୍ନ ଦିଗକୁ ନେଇ ସାଇଣ୍ଟିଫିକ୍ ଟିମ୍ ସହାୟତାରେ ଅଧିକ ତଦନ୍ତ ଚଳାଇଛି।