ବଙ୍ଗୋପସାଗରରେ ଲଘୁଚାପ: ଓଡ଼ିଶାରେ ପ୍ରବଳ ବର୍ଷା ନେଇ IMDର ଆକଳନ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ସକ୍ରିୟ ଲଘୁଚାପ କ୍ଷେତ୍ର। ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳ ୫ଟା ୩୦ ମିନିଟ୍‌ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଏହି ଲଘୁଚାପ କ୍ଷେତ୍ରଟି ସକ୍ରିୟ ହୋଇଛି। ଆଗାମୀ ୨ ଦିନ ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଉତ୍ତର ଓଡ଼ିଶା ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଅତିକ୍ରମ କରିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। ଏହାର ପ୍ରଭାବରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ଜଗତସିଂହପୁର ଜିଲ୍ଲାରେ ଅତି ଭୀଷଣ ବର୍ଷା ନେଇ ‘ରେଡ୍ ଆଲର୍ଟ’ ଜାରି କରାଯାଇଥିବା ବେଳେ କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ କେନ୍ଦୁଝର ଜିଲ୍ଲା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ‘ଅରେଞ୍ଜ ୱାର୍ଣ୍ଣିଂ’ ରହିଛି। ସେହିପରି ରାୟଗଡ଼ା, ଗଜପତି, ଗଞ୍ଜାମ, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ଦେବଗଡ଼, ସୁନ୍ଦରଗଡ଼, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲା ପାଇଁ ‘ୟେଲୋ ୱାର୍ଣ୍ଣିଂ’ ଜାରି କରାଯାଇଛି।