ନବନିର୍ବାଚିତ ମେୟର ଓ ପୌରାଧ୍ୟକ୍ଷ ଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁମନ୍ତ୍ର – ବିକାଶ ସହିତ ନିଜ ସହରକୁ ଶ୍ରେଷ୍ଠ କର

ନିଜ ନିଜ ସହର ର ବିକାଶ ସହିତ ଶ୍ରେଷ୍ଠ କରିବା ପାଇଁ ନେତୃତ୍ୱ ନେଇ ନିଷ୍ଠାର ସହ କାମ କର । ଲୋକଙ୍କ ସାଥିରେ ରୁହ ସେମାନଙ୍କ ସମସ୍ୟା ସମାଧାନ ପାଇଁ ନିଷ୍ଠାର ସହ କାମ କର । ଆଜି ଲୋକସେବା ଭବନରେ ନବନିର୍ବାଚିତ ମେୟର ଓ ପୌରାଧକ୍ଷ ମାନଙ୍କ ପାଇଁ ଆୟୋଜିତ ପୌର ଶାସନ ପ୍ରଣାଳୀ ଓ ଉନ୍ନୟନ ପଦ୍ଧତି ଶୀର୍ଷକ କର୍ମଶାଳା କୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଏହି ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ, ସହରାଞ୍ଚଳର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ଆଜି ଜାତୀୟ ଓ ଅନ୍ତର୍ଜାତୀୟ ସ୍ୱୀକୃତି ହାସଲ କରିଛି । ଜାଗା ମିଶନ ବିକାଶ ମୁଖି ଦେଶ ମାନଙ୍କ ପାଇଁ ଏକ ମଡେଲ ହୋଇଛି । ସେହିପରି ଟ୍ୟାପରୁ ବିଶୁଦ୍ଧ ପିଇବା ପାଣି ଯୋଗାଣ ସୁଜଳ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିବାରେ ଓଡିଶା ସାରା ଦେଶରେ ଏକ ମାତ୍ର ରାଜ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବସ୍ତି ବିକାଶ ସମୟରେ ରାଜ୍ୟ ସରକାର ଜମି ଅପେକ୍ଷା ଲୋକଙ୍କୁ ଅଧିକ ଗୁରୁତ୍ୱ ଦେଇ ଜାଗା ମିଶନ ଆରମ୍ଭ କରିଛନ୍ତି । ଏ ପର୍ଯ୍ୟନ୍ତ ୧.୭୫ଲକ୍ଷ ପରିବାରକୁ ଭୂମି ଅଧିକାର ଦିଆଯାଇଥିବାବେଳ ୫୮୫ ବସ୍ତିକୁ ଆଦର୍ଶ ବସ୍ତିରେ ପରିଣତ କରାଯାଇଛି । ସୁଜଳ କାର୍ଯ୍ୟକ୍ରମରେ ପୁରୀରେ ଟ୍ୟାପରୁ ବିଶୁଦ୍ଧ ପିଇବା ପାଣି ମିଳୁଥିବା ବେଳ ରାଜ୍ୟର କୋଡିଏ ଟି ସହରରେ ଏଥିପାଇଁ କାମ ଚାଲିଛି ।

ସେହିପରି କୋଭିଡ ସମୟରେ ସହରର ଗରିବ ଲୋକଙ୍କ ପାଇଁ ଆରମ୍ଭ ହୋଇଥିବା ମୁକ୍ତା ଯୋଜନା ଜାରି ରହିବ। ଏଥିପାଇଁ ବଜେଟରେ ୫୦୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ମିଶନ ଶକ୍ତି ଓ ବସ୍ତି ବିକାଶ ସଙ୍ଗଠନ ଜରିଆରେ ଚାଲିଥିବା ଏହି କାର୍ଯ୍ୟକ୍ରମ ବେଶ ଲୋକପ୍ରିୟ ହୋଇପାରିଛି।
ଏହାବାଦ ସ୍ୱଚ୍ଛତା ଓ ବର୍ଜ୍ୟ ବସ୍ତୁ ପରିଚାଳନା ଉପରେ ଅଧିକ ଗୁରୁତ୍ୱ ଦେଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ସହରାଞ୍ଚଳ ବିକାଶ ନିମନ୍ତେ 5T ର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବାରୁ ପ୍ରତ୍ୟେକ ସ୍ତରରେ ଏହାକୁ ନିଷ୍ଠାର ସହ କାର୍ଯ୍ୟକାରୀ କରି ଲୋକଙ୍କୁ ଉତ୍ତମ ସେବା ଯୋଗାଇ ଦିଅ । ନୂଆ ନେତୃତ୍ୱ ଓ ନୂଆ ପରିଚାଳନା କୌଶଳ ପୌର ସେବାକୁ ନୂତନ ଶିଖରରେ ପହଞ୍ଚାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ । ଚଳିତ ପୌର ନିର୍ବାଚନ ରେ ମା ମାନେ ବହୁ ସଂଖ୍ୟା ରେ ଭାଗ ନେଇ ବିଜୟୀ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିବା ସହ ସେମାନଙ୍କୁ ବିଶେଷ ଅଭିନନ୍ଦନ ଜଣାଇଥିଲେ ଓ ଭଲ କାମ କରି ଲୋକଙ୍କ ଆସ୍ଥା ଜାରି ରଖିବାକୁ ପରାମର୍ଶ ଦେଇଥିଲେ ।
ଏହି କାର୍ଯ୍ୟକ୍ରମ ରେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ,ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର , ନଗର ଉନ୍ନୟନ ବିଭାଗ ର ପ୍ରମୁଖ ସଚିବ ଜି ମାଥି ଭାତ ନାନ ଓ ପୌର ନିର୍ଦେଶକ ଶ୍ରୀ ସଂଗ୍ରାମଜୀତ ନାୟକ ପ୍ରମୁଖ ଯୋଗ ଦେଇଥିଲେ।