ତ୍ରୁଟିପୂର୍ଣ୍ଣ ଚିକିତ୍ସାରୁ ଗର୍ଭବତୀଙ୍କ ମୃତ୍ୟୁ ଅଭିଯୋଗ

ଭୁବନେଶ୍ବର: ବରଗଡ଼ ଜିଲ୍ଲାରେ ଏକ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଘରୋଇ ମେଡିକାଲରେ ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁଁ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତ ମହିଳା ଜଣକ ଭଟଲି ବ୍ଲକ୍ ହାତୀସର୍ ଗାଁର ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ଗତ ମେ ୧୩ ତାରିଖରେ ସେ ଚିକିତ୍ସା ପାଇଁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମାତ୍ର ଚିକିତ୍ସାରେ ଅବହେଳା ଯୋଗୁଁ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା ଏବଂ ପରବର୍ତ୍ତୀ ସମୟରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇବା ସହ ଆଜି ପରିବାର ଓ ସ୍ଥାନୀୟ ଲୋକେ ଗୋଶାଳା ଛକରେ ମୃତଦେହ ରଖି ଆନ୍ଦୋଳନ କରିଛନ୍ତି। ଦୋଷୀ ଡାକ୍ତର ଓ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି।