ଶାଶୂଘର ଚାବି ଫେରାଇଲେ ବର୍ଷା

ଭୁବନେଶ୍ୱର: ଓଡ଼ିିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ ୧୧୪ଟି ସହରରୁ ୮୫ଟି ସହରରେ ୧୦୦% ପାଇପ୍ ଜଳଯୋଗାଣର ବ୍ୟବସ୍ଥା କରାଯାଇପାରିଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୪୦ ଜଣ ଜଳସାଥୀ ୮.୪୦ ଲକ୍ଷ ଉପଭୋକ୍ତାଙ୍କ ଜଳଯୋଗାଣ କାର୍ଯ୍ୟକ୍ରମ ପରିଚାଳନା କରୁଛନ୍ତି । ଏବାବଦରେ ୬୭ କୋଟି ଟଙ୍କା ଜଳକର ଆଦାୟ ସମ୍ଭବ ହୋଇଛି । ଜଳସାଥୀମାନେ ମିଟର ରିଡିଂ, ଜଳକର ଆଦାୟ ଓ ବେନିୟମ ପାଇପ୍ ସଂଯୋଗକୁ ରୋକିପାରି ଥିବାରୁ ବ୍ୟବସ୍ଥାରେ ବହୁତ ଉନ୍ନତି ଆସିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।
ବୁଧବାର ଲୋକସେବା ଭବନସ୍ଥିତ କନ୍‌ଭେନ ସେଣ୍ଟରରେ ଜଳସାଥୀଙ୍କ ପାଇଁ ଆୟୋଜିତ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜଳସାଥୀମାନେ ସରକାରଙ୍କ ଜଳଯୋଗାଣ ବିଭାଗ ଓ ଉପଭୋକ୍ତାଙ୍କ ମଧ୍ୟରେ ସେତୁ । ଉଭୟଙ୍କ ମଧ୍ୟରେ ବିଶ୍ୱାସ ସୃଷ୍ଟି କରିବାରେ ସହାୟକ ହୋଇଛନ୍ତି । ସେମାନଙ୍କ କାର୍ଯ୍ୟ ଦକ୍ଷତା ଦ୍ୱାରା ଜଳଯୋଗାଣର ଗୁଣବତ୍ତା ଓ ନିର୍ଭରଶୀଳତା ପ୍ରତିପାଦିତ ହୋଇପାରିଛି । ସହରାଞ୍ଚଳ ପାନୀୟ ଜଳ ଯୋଗାଣ ଓ ଜଳ ବିଶୋଧନ ପରୀକ୍ଷାଗାର କାର୍ଯ୍ୟକ୍ରମରେ ମିଶନ ଶକ୍ତିର ମା’ ଓ ତୃତୀୟ ଲିଙ୍ଗର ଭଉଣୀମାନଙ୍କୁ ଦାୟିତ୍ୱ ଦିଆଯାଇଛି । ସେମାନେ ମିଟର ରିଡିଂ, ଜଳର ମାନ ପରୀକ୍ଷା, ନୂତନ ସଂଯୋଗ ଓ ବେନିୟମ ସଂଯୋଗ ଦୂର କରିବା କ୍ଷେତ୍ରରେ କାମ କରୁଛନ୍ତି । ଏଥିପାଇଁ ସେମାନଙ୍କୁ ତାଲିମ ଦିଆଯାଇଛି । ଖୁବ୍‌ଶୀଘ୍ର ଜଳସାଥୀଙ୍କ ଯାତାୟତର ସୁବିଧା ପାଇଁ ସାଇକେଲ ପ୍ରଦାନ କରାଯିବ । ବିକେନ୍ଦ୍ରୀକରଣ ଓ ଜନ ଭାଗିଦାରୀ ରାଜ୍ୟ ସରକାରଙ୍କ ସହରାଞ୍ଚଳ ପରିଚାଳନା ମଡେଲ୍‌ର ଦୁଇ ଆଖି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହଛନ୍ତି ଯେ ଜଳସାଥୀମାନେ ଏହି ଉଭୟ ପକ୍ଷକୁ ପ୍ରତିନିଧିତ୍ୱ କରୁଛନ୍ତି । ୩ ବର୍ଷ ତଳେ ୫-ଟି ଉପକ୍ରମରେ ଆରମ୍ଭ ହୋଇଥିଲା ଏହି କାର୍ଯ୍ୟକ୍ରମ । ଏବେ ସାରା ରାଜ୍ୟରେ ସବୁ ସହରାଞ୍ଚଳରେ ଜଳସାଥୀମାନେ ଜଳଯୋଗାଣ କାର୍ଯ୍ୟକ୍ରମକୁ ସଫଳତାର ସହ ପରିଚାଳନା କରୁଛନ୍ତି । ଜଳସାଥୀ କାର୍ଯ୍ୟକ୍ରମ ସଫଳତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମିଶନଶକ୍ତି ଗୋଷ୍ଠୀଙ୍କୁ ସମ୍ପତ୍ତି କର ଆଦାୟ ଦାୟିତ୍ୱ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହାଦ୍ୱାରା ସହରାଞ୍ଚଳରେ ରାଜସ୍ୱ ବୃଦ୍ଧି ହେବା ସହିତ ମିଶନଶକ୍ତି ମା’ ମାନଙ୍କର ଆର୍ôଥକ ଅଭିବୃଦ୍ଧି ସହିତ ସଶକ୍ତୀକରଣ ହୋଇପାରିବ । ରାଜ୍ୟ ସରକାରଙ୍କ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ କାର୍ଯ୍ୟକ୍ରମରେ ଆନ୍ତର୍ଜାତିକମାନର ପାନୀୟ ଜଳ ୨୪ ଘଣ୍ଟା ଯୋଗାଇ ଦିଆଯାଉଛି । ଏହି କାର୍ଯ୍ୟକ୍ରମ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ଓ ଅନୁକରଣୀୟ ହୋଇପାରିଛି । ଡ୍ରିଙ୍କ୍ ଫ୍ରମ ଟ୍ୟାପ୍ ଓ ଜଳସାଥୀ କାର୍ଯ୍ୟକ୍ରମକୁ ଜାତୀୟ ସ୍ତରରେ ପ୍ରାଥମିକତା ଦିଆଯାଇ ଅମୃତ ୨.୦ କାର୍ଯ୍ୟକ୍ରମରେ ସବୁ ରାଜ୍ୟରେ କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜାଗା ମିଶନ ଓ ଡ୍ରିଙ୍କ୍ ଫ୍ରମ ଟ୍ୟାପ୍ ପରି କାର୍ଯ୍ୟକ୍ରମ ଓଡ଼ିଶାର ସହରାଞ୍ଚଳ ପାଇଁ ଏକ ସଫଳତାର କାହାଣୀ ହୋଇପାରିଛି । ଜଳସାଥୀ ପରି ଜନଭାଗିଦାରୀ କାର୍ଯ୍ୟକ୍ରମ ବିନା ଏହା ସଫଳ ହୋଇପାରି ନଥାନ୍ତା । ମିଶନ ଶକ୍ତିର ବିଭିନ୍ନ ଗୋଷ୍ଠୀ ଓ ଜଳସାଥୀଙ୍କ ସହିତ ଭାଗିଦାରୀ ପାଇଁ ରାଜ୍ୟ ସରକାର ଗର୍ବିତ । ଜନଭାଗିଦାରୀ କାର୍ଯ୍ୟକ୍ରମ ଦ୍ୱାରା ପ୍ରଶାସନିକ ବ୍ୟବସ୍ଥାରେ ନାଗରିକମାନେ ଉତ୍କୃଷ୍ଟ ସେବା ପାଇପାରିଥାନ୍ତି । ଏହା ଏକ ସଶକ୍ତ ଓଡ଼ିିଶା ଗଠନ ଦିଗରେ ଆମକୁ ଆଗେଇ ନେବ ବୋଲି ସେ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଜଳସାଥୀମାନଙ୍କ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମରେ ମିଶନ ଶକ୍ତିର ମା’ ମାନେ ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରିଥିଲେ । ପୁରୀର ଶ୍ରୀମତୀ ମହାପାତ୍ର ଓ ଭୁବନେଶ୍ୱରର ସୁଜାତା ପଟ୍ଟନାୟକ ପ୍ରମୁଖଙ୍କ ଆଖିରେ ଥିଲା ଆନନ୍ଦର ଅଶ୍ରୁ । କୋହଭରା କଣ୍ଠରେ ସେମାନେ କହିଥିଲେ, ଘର ଭିତରେ ଗୃହିଣୀ ହେବା ଛଡ଼ା ଆମର ଆଉ କିଛି କରିବାର ଶକ୍ତି ଅଛି ବୋଲି ଆମେ ଜାଣି ନ ଥିଲୁ । ମୁଖ୍ୟମନ୍ତ୍ରୀଙ୍କ ଯୋଗୁ ଆମେ ଏକ ସ୍ୱତନ୍ତ୍ର ପରିଚୟ ପାଇପାରିଛୁ । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀ ଉଷା ଦେବୀ କହିଛନ୍ତି ଯେ ମା’ମାନଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଆଜି ସଫଳତାର ସହ କାର୍ଯ୍ୟକାରୀ ହୋଇଛି । ମହିଳା ସଶକ୍ତୀକରଣ ଦିଗରେ ଏହା ଏକ ଅନନ୍ୟ ଉଦାହରଣ । ଉକ୍ତ କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି. ମାଥିଭାତନନ ସ୍ୱାଗତ ଭାଷଣ ଦେଇ କହିଲେ ଯେ ରାଜ୍ୟର ସହରାଞ୍ଚଳର ୯୭ ଭାଗ ଲୋକ ଏବେ ପାଇପ୍ ଜଳ ପାଇପାରୁଛନ୍ତି । ରାଜ୍ୟର ୮୫ଟି ସହରରେ ଶତପ୍ରତିଶତ ପାଇପ୍ ଜଳଯୋଗାଣ ହୋଇଥିବା ବେଳେ, ବାକି ୨୦ଟି ସହରରେ ଡିସେମ୍ବର ୨୦୨୩ ସୁଦ୍ଧା ପାଇପ୍ ଜଳର ବ୍ୟବସ୍ଥା ସଂପୂର୍ଣ୍ଣ ହେବ । ବିଭାଗୀୟ ସ୍ୱତନ୍ତ୍ର ସଚିବ ସାଗରିକା ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।