ଆଉ ୬ ଦୁର୍ନୀତିଗ୍ରସ୍ତ ,ଅପାରଗ ସରକାରୀ ଅଫିସର ବିଦା

ଦୁର୍ନୀତିଗ୍ରସ୍ତ ଓ ଅପାରଗ ସରକାରୀ ଅଧିକାରୀ ଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ କଡା ଆଭିମୁଖ୍ୟ ପୋଷଣ କରିଛନ୍ତି । ଆଜି ଆଉ ୬ ଜଣ ଅପାରଗ ଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ସେମାନଙ୍କ ମଧ୍ୟରୁ ତିନି ଜଣ କାର୍ଯ୍ୟନିର୍ବାହୀ ଇଞ୍ଜିନିୟର, ପୋଲିସ ଇନ୍ସପେକ୍ଟର, ଅତିରିକ୍ତ ଯୋଗାଣ ଅଧିକାରୀ ଓ ଜିଲ୍ଲା କଲ୍ୟାଣ ଅଧିକାରୀ ଥିବା ଜଣାପଡିଛି । ଏ ପର୍ଯ୍ୟନ୍ତ ୧୫୮ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ କଠୋର ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।
ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି I ଏମାନଙ୍କ ମଧ୍ୟରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅଧିନସ୍ଥ ଜନସ୍ବାସ୍ଥ୍ୟ ଇଞ୍ଜିନିୟରିଂ କ୍ୟାଡରର ୩ ଜଣ ଏକ୍ଜିକ୍ୟୁଟିଭ ଇଞ୍ଜିନିୟର ରହିଛନ୍ତି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ର ଇଞ୍ଜିନିୟର ଶ୍ରୀ ସରୋଜ କୁମାର ଦାସଙ୍କ କାର୍ଯ୍ୟଶୈଳୀ ଆଦୌ ସନ୍ତୋଷଜନକ ନଥିଲା ଏବଂ ତାଙ୍କର ଅତୀତର ରେକର୍ଡରୁ ଜଣାଯାଇଛି ଯେ କାର୍ଯ୍ୟ କ୍ଷେତ୍ରରେ ଅତ୍ୟନ୍ତ ଅପାରଗ ଥିଲେ। ଏହା ସହିତ ତାଙ୍କର ଅନୈତିକ କାର୍ଯ୍ୟ ଏବଂ ଅପାରଗତା ଯୋଗୁ ସେ ଜଣେ ସରକାରୀ ଅଧିକାରୀ ଭାବେ ଦାୟିତ୍ବ ତୁଲାଇବା ରେ ଅସମର୍ଥ । ତେଣୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।
ସେହିପରି କାର୍ଯ୍ୟନିର୍ବାହୀ ଇଞ୍ଜିନିୟର ଶ୍ରୀ ଦୟାନିଧି ସାମଲଙ୍କ କାର୍ଯ୍ୟକଳାପ କାର୍ଯ୍ୟର ପରିପନ୍ଥୀ ଓ ଜନସ୍ବାର୍ଥ ବିରୋଧୀ ଥିଲା I ଏହା ସହିତ ଅପାରଗତା ଓ ଅସାଧୁତା ଆଦି କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ତାଙ୍କ ସହିତ ଆଉ ଜଣେ କାର୍ଯ୍ୟନିର୍ବାହୀ ଇଞ୍ଜିନିୟର ଶ୍ରୀ କରୁଣାକର ଘଡାଇଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି। ତାଙ୍କର କାର୍ଯ୍ୟକଳାପ ସନ୍ତୋଷଜନକ ନୁହେଁ ଏବଂ ତାଙ୍କ ବିରୁଦ୍ଧରେ ଅସାଧୁତାର ପ୍ରମାଣ ମଧ୍ୟ ରହିଛି । ତେଣୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।
ସେପଟେ ଅନୁଗୁଳ ଜିଲ୍ଲା ପୋଲିସ ଇନ୍ସପେକ୍ଟର ଶ୍ରୀ ରତ୍ନାକର ମଲ୍ଲିକଙ୍କୁ ଅପାରଗତା କାରଣକୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ସେହିପରି ନୂଆପଡା ଜିଲ୍ଲାର ଅତିରିକ୍ତ ଯୋଗାଣ ଅଧିକାରୀ ଶ୍ରୀ ରତ୍ନାକର ସେଠୀଙ୍କ ନାମରେ ଦୁଇଟି ଦୁର୍ନୀତି ମାମଲା ରହିବ ସହିତ ଭିଜିଲାନ୍ସ ଚଢ଼ାଉ ବେଳେ ତାଙ୍କ ନିକଟରୁ ୬.୫ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ କରାଯାଇ ଥିଲା ଇ ଏବଂ ପରବର୍ତ୍ତୀ ସମୟରେ ସେ ଜେଲ ଯାଇଥିଲେ I ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।
ଅନୁଗୁଳ ଜିଲ୍ଲାର ପୂର୍ବତନ କଲ୍ୟାଣ ଅଧିକାରୀ ମିସ୍ ଚାରୁଲତା ମଲ୍ଲିକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି। ଜିଲ୍ଲା କଲ୍ୟାଣ ଅଧିକାରୀ ଭାବରେ ସେ ଲାଞ୍ଚ ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ। ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିଲା। ବର୍ତ୍ତମାନ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୮ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି।