ଆଜି ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ; ଜଣାନ୍ତୁ କେଉଁ ସମୟ

ପୁରୀ: ଆଜି କାର୍ତ୍ତିକ-କୃଷ୍ଣ ଦଶମୀ ମଳ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଏହି ସ୍ୱତନ୍ତ୍ର ନୀତି ପାଇଁ ଅପରାହ୍ଣ ୫ଟାରୁ ରାତି ୯ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ। ରାତି ୯ଟା ପରେ ଦର୍ଶନ ସ୍ବାଭାବିକ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ସେଥିପାଇଁ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ । ପ୍ରତିମାସରେ ହାରାହାରି ଦୁଇଥର ଶ୍ରୀଜୀଉମାନଙ୍କର ମୁଖଶ୍ରୀର ପ୍ରସାଧନ ବା ବନକ ଲାଗି ହୋଇଥାଏ ।  ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ ।

ବନକଲାଗି ନୀତି ଗୁପ୍ତ ନୀତି ହୋଇଥିବାରୁ ବିଧି ଅନୁସାରେ ଦତ୍ତ ମହାପାତ୍ର ସେବାୟତଙ୍କୁ ହିଙ୍ଗୁଳ, ହର୍ତାଳ, କସ୍ତୁରୀ ଓ କେଶର ଯୋଗାଇ ଦିଆଯାଇଛି । ଏହାକୁ ମିଶ୍ରଣ କରି ସ୍ୱତନ୍ତ୍ର ରଙ୍ଗ ପ୍ରସ୍ତୁତ କରି ସେବକମାନେ ଅପରାହ୍ନରେ ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିରରେ ପ୍ରବେଶ କରିବେ । ରତ୍ନସିଂହାସନ ଉପରେ ଚଢ଼ି ଅଧର ପୋଛା କରି ତାପରେ ଶ୍ରୀମୁଖ ଶୃଙ୍ଗାର କରିବେ । ଏହି ସମୟରେ ଜୟ ବିଜୟ ଦ୍ୱାର ବନ୍ଦ ରହିବ । ଏହି ସେବାରେ ୫ ଜଣ ଦତ୍ତ ମହାପାତ୍ର ସେବାୟତ ନିୟୋଜିତ ରହିବେ ।