କୃଷି ଓଡିଶା-୨୦୨୩ ଉଦ୍‌ଘାଟିତ,ନୂଆ ନୂଆ ଟେକ୍‌ନୋଲୋଜିର ବ୍ୟବହାର କରିବାକୁ ଚାଷୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

28

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ବରମୁଣ୍ଡା ପଡିଆଠାରେ ରାଜ୍ୟସ୍ତରୀୟ ବାର୍ଷିକ କୃଷି ମହୋତ୍ସବ ‘କୃଷି ଓଡିଶା’ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ଉପସ୍ଥିତ କୃଷକ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଚାଷୀ ମାନଙ୍କୁ ନୂଆ ନୂଆ ଟେକ୍‌ନୋଲୋଜିର ବ୍ୟବହାର କରିବା ସହିତ ଅଣଧାନ ଅର୍ଥକରୀ ଫସଲ ଚାଷ କରିବା ପାଇଁ ପରାମର୍ଶ ଦେଇଛନ୍ତି। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ବାରା ଆୟୋଜିତ କୃଷି ଓଡିଶା-୨୦୨୩ ଆଜି ଠାରୁ ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଟେକ୍‌ନୋଲୋଜି ହେଉଛି ବିକାଶର ଆଧାର। କୃଷି କ୍ଷେତ୍ରରେ ମଧ୍ୟ ଟେକ୍‌ନୋଲୋଜିର ବହୁତ ଆବଶ୍ୟକତା ରହିଛି । ଏ ବର୍ଷ ମେଳାରେ କୃଷି କ୍ଷେତ୍ରରେ ନୂଆ ଟେକ୍‌ନୋଲୋଜିର ବ୍ୟବହାର ଉପରେ ଗୁରୁତ୍ବ ଦିଆଯାଇଥିବାରୁ ସେ ଖୁସି ପ୍ରକାଶ କରିଥିଲେ । ।

ଏହା ସହିତ ମୁଖ୍ୟମନ୍ତ୍ରୀ କୃଷି କ୍ଷେତ୍ରରେ ଓଡିଶା ଆଜି ଏକ ଆଗୁଆ ରାଜ୍ୟ ହୋଇପାରିଛି। କୃଷି ଓ କୃଷକମାନଙ୍କ ଉନ୍ନତି ମୋ ସରକାରର ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ବୋଲି କହିଥିଲେ । ସେହିପରି ଆଜି ଆମେ ଖାଦ୍ୟଶସ୍ୟରେ ଏକ ବଳକା ରାଜ୍ୟ ହୋଇ ସାରା ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଚାଉଳ ଯୋଗାଇ ପାରୁଛୁ ବୋଲି ସେ କହିଥିଲେ ।

କାଳିଆ ଯୋଜନା ଦ୍ବାରା ଚାଷୀ ମାନଙ୍କୁ ରୋଜଗାର ସୁରକ୍ଷା ମିଳିପାରିଛି ଏବଂ ଫାର୍ମ ମେକାନାଇଜେସନ ଉପରେ ଗୁରୁତ୍ବ ଦିଆଯିବ ସହ ପଣସ ମିଶନ, ଛତୁ ମିଶନ ଆଦି ସ୍ବତନ୍ତ୍ର ମିଶନ ଜରିଆରେ ଚାଷୀଙ୍କ ରୋଜଗାର ସହିତ ପୁଷ୍ଟି ନିରାପତ୍ତା ପାଇଁ ମଧ୍ୟ ଗୁରୁତ୍ବ ଦିଆଯାଉଛି ବୋଲି କହିଛନ୍ତି । ମିଶନ ଶକ୍ତି ମା ମାନଙ୍କର ରୋଜଗାର ବଢାଇବାରେ ମିଲେଟ ମିଶନ ସାରା ଦେଶରେ ସହାୟକ ହୋଇଥିବା କଥା କହିଛନ୍ତି ।

ଆଜି ର ‘କୃଷି ଓଡିଶା’ରେ ଉପସ୍ଥିତ ଥିବା WFP, IFAD ଏବଂ FAO ପରି ସଂସ୍ଥାର ପ୍ରତିନିଧି ମାନଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କୃଷି କ୍ଷେତ୍ରରେ ସେମାନଙ୍କ ନିରନ୍ତର ସହଯୋଗ ପାଇଁ ଧନ୍ୟବାଦ ଅର୍ପଣ କରିଥିଲେ ।

ଏହି ଅବସରରେ କୃଷିମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିଜର ଅଭିଭାଷଣ ରଖି କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ କୃଷି ବିଭାଗ ଅନେକ ଯୁଗାନ୍ତକାରୀ ପଦକ୍ଷେପ ନେଇଛି । କୃଷକ ମାନଙ୍କ ଆୟବୃଦ୍ଧିରେ କୃଷି ଆନୁସଂଗିକ କାର୍ଯ୍ୟକ୍ରମ ଉପରେ ଗୁରୁତ୍ବ ଦିଆଯାଇ ଗତ ଦୁଇ ଦଶନ୍ଧି ମଧ୍ୟରେ ଓଡିଶା ମାଛ, ମାଂସ, ଅଣ୍ଡା ଓ ଦୁଗ୍‌ଧ ଉତ୍ପାଦନରେ ସ୍ବାବଲମ୍ବୀ ହୋଇପାରିବା ସହିତ ଚାଷୀ ମାନଙ୍କ ରୋଜଗାର ମଧ୍ୟ ବୃଦ୍ଧି କରାଯାଇପାରିଛି ବୋଲି ସେ କହିଥିଲେ ।

ଓଡିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷର ଅଧ୍ୟକ୍ଷ ଶ୍ରୀ ସୁବ୍ରତୋ ବାଗ୍‌ଚୀ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ପ୍ରମୁଖ ବିଭାଗୀୟ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ । କୃଷି ଓ କୃଷକ ସଶକ୍ତିକରଣ ବିକାଶ ପ୍ରମୁଖ ସଚିବ ଡଃ ଅରବିନ୍ଦ ପାଢୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ଶ୍ରୀ ପ୍ରେମଚନ୍ଦ ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ।

Comments are closed, but trackbacks and pingbacks are open.