ଭୁବନେଶ୍ବର: ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟରରେ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ଏବଂ ଡିଜିଟାଲ୍ କ୍ରିଏଟରମାନଙ୍କୁ ନେଇ ଏକ ସ୍ୱତନ୍ତ୍ର ଆଲୋଚନାଚକ୍ର ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଡିଜିଟାଲ୍ କ୍ରିଏଟରମାନଙ୍କୁ ବିକଶିତ ଭାରତ ଓ ସମୃଦ୍ଧ ଓଡ଼ିଶାର ସବୁଠାରୁ ଶକ୍ତିଶାଳୀ ‘ଡିଜିଟାଲ୍ ଆମ୍ବାସଡରସ୍’ ଏବଂ ଭବିଷ୍ୟତର ‘ଓପିନିଅନ ଲିଡରସ୍’ ବୋଲି କହିଛନ୍ତି। ଡିଜିଟାଲ କ୍ରିଏଟର ମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯିଏ ଯେଉଁ ଚିନ୍ତାଧାରାର ସମର୍ଥକ ହୁଅନ୍ତୁ ନା କାହିଁକି, ସମସ୍ତଙ୍କ ପାଇଁ ‘ରାଷ୍ଟ୍ର ସର୍ବୋପରି’ ହେବା ଉଚିତ। ‘ଦେଶ’ ଏବଂ ‘ସରକାର’ ମଧ୍ୟରେ ପାର୍ଥକ୍ୟ ଦର୍ଶାଇ ସେ କହିଥିଲେ, ଆପଣ ସରକାରଙ୍କୁ ସମାଲୋଚନା କରି ପାରିବେ, କିନ୍ତୁ ସରକାରଙ୍କୁ ସମାଲୋଚନା କରିବା ଆଳରେ ‘ଦେଶକୁ’ ଅସମ୍ମାନ କରିବା କେବେ ବି ଗ୍ରହଣୀୟ ନୁହେଁ । ସୋସିଆଲ ମିଡିଆରେ ଆପତ୍ତିଜନକ ପୋଷ୍ଟିଂ ଯୋଗୁଁ ଯୁବପିଢ଼ି ଯେଭଳି ବିବାଦରେ ଛନ୍ଦି ହୋଇ ନିଜ ଭବିଷ୍ୟତ ନଷ୍ଟ ନକରନ୍ତି, ସେଥିପ୍ରତି ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ସତର୍କ କରାଇ ଦେଇଥିଲେ। ଏଥି ସହିତ ମୁଖ୍ୟମନ୍ତ୍ରୀ ସରକାରଙ୍କ ବିଭିନ୍ନ ଲୋକକଲ୍ୟାଣ କାର୍ଯ୍ୟକ୍ରମ ଗୁଡିକୁ କଣ୍ଟେଣ୍ଟ ମାଧ୍ୟମରେ ଲୋକମାନଙ୍କ ନିକଟରେ ପହଞ୍ଚାଇବା ଆବଶ୍ୟକ ବୋଲି ସେ କହିଥିଲେ।
Comments are closed, but trackbacks and pingbacks are open.