ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ତିନୋଟି ଜିଲ୍ଲାର ବନ୍ୟା ପରିସ୍ଥିତି ଅନୁଧ୍ୟାନ, କ୍ଷୟକ୍ଷତି ରିପୋର୍ଟ ଶୀଘ୍ର ଦେବାକୁ ନିର୍ଦ୍ଦେଶ

305

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ସ୍ୱତନ୍ତ୍ର ରିଲିଫ କମିଶନର ଶ୍ରୀ ଦେଓ ରଞ୍ଜନ କୁମାର ସିଂହ ମଧ୍ୟ ଉପସ୍ଥିତ ଥିଲେ। ବନ୍ୟା ପରିସ୍ଥିତି ଅନୁଧ୍ୟାନ ପରେ ଲୋକସେବା ଭବନରେ ଗଣମାଧ୍ୟମ ନିକଟରେ ବିବୃତ୍ତିରଖି ମୁଖ୍ୟମନ୍ତ୍ରୀ କହିଥିଲେ ୩ଟି ଜିଲ୍ଲାର ୮ଟି ବ୍ଲକର ୮୧ଟି ଗାଁ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି। ବାଲେଶ୍ୱରର ୪ଟି ବ୍ଲକ୍‍ ଯଥା ବସ୍ତା, ବାଲିଆପାଳ, ଭୋଗରାଇ ଓ ଜଳେଶ୍ୱର ଏବଂ ଭଦ୍ରକ ଜିଲ୍ଲାର ଧାମନଗର ଓ ଭଣ୍ଡାରୀପୋଖରୀ ଏବଂ ଯାଜପୁର ଜିଲ୍ଲାର ଯାଜପୁର ଓ ଦଶରଥପୁର ବ୍ଲକ ପ୍ରଭାବିତ ହୋଇଛି । ବନ୍ୟାଦ୍ୱାରା ପ୍ରାୟ ୩୦ ହଜାର ଲୋକ ପ୍ରଭାବିତ ହୋଇଥିବା ବେଳେ ୫୮୬୯ ଜଣ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ବିଭିନ୍ନ ନଦୀରେ ଜଳସ୍ତର କମୁଛି। ବାଲେଶ୍ୱର ଜିଲ୍ଲାର ସୁବର୍ଣ୍ଣରେଖା ଓ ଜଳକା ଆଦି ନଦୀରେ ପାଣି କମିବାରେ ଲାଗିଛି। ବନ୍ୟାପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ଅଛି। କେନ୍ଦୁଝର ଏବଂ ଅନ୍ୟ କିଛି ଜିଲ୍ଲାରେ ବନ୍ୟା ହୋଇଥିଲେ ମଧ୍ୟ ଏହାର ବିଶେଷ ପ୍ରଭାବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ଶୁଖିଲା ଖାଦ୍ୟ ଏବଂ ଆବଶ୍ୟକସ୍ଥଳେ ଗରମ ରନ୍ଧାଖାଦ୍ୟ ପ୍ରଦାନ କରାଯାଉଛି। ଏଥିପାଇଁ ବାଲେଶ୍ୱରରେ ୧୬ଟି, ଭଦ୍ରକରେ ୧୦ଟି ଓ ଯାଜପୁରରେ ୩ଟି ଫ୍ରି କିଚିନର ବ୍ୟବସ୍ଥା କରାଯାଇଛି । ସମୁଦାୟ ପ୍ରାୟ ୧୦ ହଜାର ପ୍ରଭାବିତ ଲୋକଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି ଏବଂ ଆଗାମୀ ୭ ଦିନ ପର୍ଯ୍ୟନ୍ତ ରନ୍ଧାଖାଦ୍ୟ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ବନ୍ୟା ପରବର୍ତ୍ତୀ ସମୟରେ ଅନେକ ସମସ୍ୟା ଦେଖାଦିଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ବିଶେଷ କରି ଡାଇରିଆ ଓ ଅନ୍ୟାନ୍ୟ ଜଳ ବାହିତ ରୋଗର ନିୟନ୍ତ୍ରଣ ପାଇ ଜଳ ଉତ୍ସ ଗୁଡିକର ବିଶୁଦ୍ଧକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ଏହାକୁ ଜାରି ରଖିବା ପାଇଁ ସ୍ଥାନୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। କୌଣସି ପରିସ୍ଥିତିରେ ଯେପରି ଡାଇରିଆ ରୋଗର ପ୍ରଭାବ ଦେଖାନଯିବ, ସେଥିପ୍ରତି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ବୋଲି ସେ କହିଥିଲେ। ଅନେକ ସ୍ଥାନରେ ସାପ କାମୁଡା ପରି ଘଟଣା ଘଟେ ବୋଲି ପ୍ରକାଶ କରି ସେ କହିଥିଲେ ଯେ, ଏଥିପାଇଁ ବ୍ୟାପକ ପରିମାଣରେ ଆଣ୍ଟିଭେନମ୍ ଓ ଅନ୍ୟାନ୍ୟ ଆବଶ୍ୟକ ଔଷଧ ମହଜୁଦ ରଖିବା ପାଇଁ ସ୍ୱାସ୍ଥ୍ୟ ବିଭାଗ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Comments are closed, but trackbacks and pingbacks are open.