ଆଜିଠୁ ୩ ଦିନ ଧରି ଶ୍ରୀମନ୍ଦିରରେ ପାଳନ ହେବ ଦେବ ଦୀପାବଳି ନୀତି

40

ପୁରୀ :୨୨-୧୧-(ପି.ଏନ.ଏ.) ଆଜି ମାର୍ଗଶିର କୃଷ୍ଣ ଚତୁର୍ଦଶୀ ତିଥି I ଶ୍ରୀମନ୍ଦିରରେ ଆଜିଠାରୁ ତିନିଦିନ ବ୍ୟାପି ଆରମ୍ଭ ହେଉଛି ଦେବଦୀପାବଳି ନୀତି । ମହାପ୍ରଭୁ ଏହି ତିନିଦିନ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ଦେଇଥାନ୍ତି ।

ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି ଯଥାବିଧି ପାଳନ ହେବାର ପରମ୍ପରା ରହିଛି । ପ୍ରଥମ ଦିନ ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ସନ୍ଧ୍ୟାଧୂପ ନୀତି ବଢିବା ପରେ ମହାପ୍ରଭୁ, ଅଦିତି କଶ୍ୟପଙ୍କ ଉଦ୍ଦେଶ୍ୟରେ, ଆମାବାସ୍ୟା ଦିନ ଦଶରଥ କୌଶଲ୍ୟାଙ୍କ ଉଦ୍ଦେଶ୍ୟରେ, ପ୍ରତିପଦା ଦିନ ବସୁଦେବ ଦେବକୀ, ନନ୍ଦ ଯଶୋଦା, ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ଦେବୀଙ୍କ ଉଦ୍ଦେଶ୍ୟରେ ପ୍ରଦୀପ ଉତ୍ସର୍ଗ କରନ୍ତି। ଏହି ତିନି ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ରାଦ୍ଧ ବେଶ ଧାରଣ କରି ପିତୃପୁରୁଷ ଉଦେଶ୍ୟରେ ଶ୍ରାଦ୍ଧ ତର୍ପଣ କରିବେ। ପୁଷ୍ପାଳକ ସେବକମାନେ ଠାକୁରମାନଙ୍କୁ ଶ୍ରାଦ୍ଧବେଶରେ ନାଗପୁରୀ ଶାଢ଼ି ଚାଦରରେ ଭୂଷିତ କରାଇଥାନ୍ତି । ଏହି ସମୟରେ ଶ୍ରୀବିଗ୍ରହମାନଙ୍କୁ ସାଧାବେଶରେ ସଜ୍ଜିତ କରାଯାଏ ।

ପ୍ରତ୍ୟେକ ଠାକୁରଙ୍କ ଧଡ଼ି ଗୁଡିକ ଭିନ୍ନ ରଙ୍ଗର ହୋଇଥାଏ । ଶ୍ରୀଜଗନ୍ନାଥଙ୍କ ସୂତାଶାଢ଼ି (ନାଗପୁରୀ ଶାଢ଼ି) ଲମ୍ବା ୧୬ ହାତ କିମ୍ବା ୧୮ ହାତ, ଧଡ଼ି ଓସାର ଏକ ଫୁଟ ଅଟେ । ଉକ୍ତ ବସ୍ତ୍ରରେ କୁମ୍ଭ ଥାଇ ଧଡ଼ିର ବର୍ଣ୍ଣ ହେଉଛି ନାଲି । ଶ୍ରୀବଳଭଦ୍ରଙ୍କ ବସ୍ତ୍ରର ଲମ୍ବା ୧୪ ହାତ , ଓସାର ୪ ହାତ ,ଧଡ଼ି ଓସାର ୧ ଫୁଟ ,ଉକ୍ତ ବସ୍ତ୍ରର ଧଡ଼ି ବର୍ଣ୍ଣ ହେଉଛି କଳା । ଶ୍ରୀସୁଭଦ୍ରାଙ୍କ ଶାଢ଼ିର ଲମ୍ବା ୧୨ ହାତ , ଓସାର ସାଢେ ୩ ଫୁଟ,ଧଡ଼ି ଓସାର ଏକ ଫୁଟ, ଉକ୍ତ ବସ୍ତ୍ର ଧଡ଼ି ବର୍ଣ୍ଣ ହେଉଛି ହଳଦିଆ ।

ଏତଦବ୍ୟତିତ ଶ୍ରୀବିଗ୍ରହମାନଙ୍କ କଳେବର ଗୋଟିଏ ଗୋଟିଏ ଚାଦରରେ ମଣ୍ଡନ ହୋଇଥାଏ । ଶିର ଦେଶରେ ଶ୍ରୀକାପଡା ବସ୍ତ୍ର (ସୂତା ବସ୍ତ୍ର)ରେ ଆବୃତ କରାଯାଏ । ଚାଦରିଟି ଶ୍ରୀଭୁଜରେ ପ୍ରସରି ଥାଏ । ଶ୍ରାଦ୍ଧବେଶରେ ବ୍ୟବହୃତ ହେଉଥିବା ବସ୍ତ୍ରକୁ କାଈ ଧଡ଼ିଆ (ନାଗପୁରୀ) ଲୁଗା କୁହାଯାଏ । ଶ୍ରାଦ୍ଧବେଶରେ ଠାକୁରମାନଙ୍କୁ ଲାଗି କରାଯାଉ ଥିବା ସ୍ୱର୍ଣ୍ଣ ଅଳଙ୍କାର ମଧ୍ୟରେ ତଡ଼ଗୀ, ନଳିଭୁଜ, ଚନ୍ଦ୍ର, ସୂର୍ୟ୍ୟ, କୁଣ୍ଡଳ, ଆଡ଼କାନି, ହରିଡା ମାଳି, ଅଣ୍ଟାକମର ପଟି ପ୍ରଭୂତି ରହିଛି। ଶ୍ରାଦ୍ଧ ବେଶରେ ସ୍ୱର୍ଣ୍ଣ ଅଳଙ୍କାରରେ ଠାକୁରମାନେ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି Iଏହା ସହ ଏହି ତିନିଦିନ ମଧ୍ୟ ମହାଦୀପ ମଧ୍ୟ ପ୍ରଜ୍ବଳିତ ହେବ । ତେଣୁ ଏହାକୁ ଦେବଦୀପାବଳି କୁହାଯାଏ ।

Comments are closed, but trackbacks and pingbacks are open.