‘ମହାପ୍ରସାଦ ପ୍ରସ୍ତୁତ ହେଉଥିବା ଚୁଲି ଭାଙ୍ଗିବା ଅତ୍ୟନ୍ତ ଦୁଃଖଦାୟକ’: କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

27

ଶ୍ରୀମନ୍ଦିର ରୋଷଘର ଚୁଲିଭଙ୍ଗା ଘଟଣାକୁ ନେଇ ଚିନ୍ତା ପ୍ରକଟ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀମନ୍ଦିର ରୋଷଘର ଚୁଲିଭଙ୍ଗା ତାଙ୍କୁ ଦୁଃଖିତ ଓ ବ୍ୟଥିତ କରିଥିବା କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ‘ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରୋଷଘର ଚୁଲିକୁ ଭାଙ୍ଗିବା ଖବର ମୋତେ ଦୁଃଖିତ ଓ ବ୍ୟଥିତ କରିଛି ‘ ବୋଲି ଟ୍ୱିଟ୍ କରି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ।ମହାପ୍ରଭୁ ଓଡିଶାବାସୀ ଓ ସାରା ବିଶ୍ୱର ହିନ୍ଦୁ ସମାଜର ଆସ୍ଥା ଓ ବିଶ୍ୱାସର କେନ୍ଦ୍ର । ଶ୍ରୀମନ୍ଦିର ସହ ମହାପ୍ରଭୁଙ୍କ ମହାପ୍ରସାଦର ରହିଛି ଅନନ୍ୟ ସମ୍ପର୍କ । ରୋଷଘରର ଅବଢ଼ା ପ୍ରସ୍ତୁତ ହେଉଥିବା ଚୁଲିକୁ ଭାଙ୍ଗି ଦେଇ ମହାପ୍ରଭୁଙ୍କ ପ୍ରସାଦ ପ୍ରସ୍ତୁତିକୁ ବ୍ୟାଘାତ କରିବା ଦୁଃଖଦାୟକ ବୋଲି କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି ।
ସେ ଆହୁରି ଲେଖିଛନ୍ତି, ମହାପ୍ରସାଦ ସହ ଓଡ଼ିଆଙ୍କ ଭାବାବେଗ ଜଡ଼ିତ । ମହାପ୍ରଭୁଙ୍କ ମହାପ୍ରସାଦ ଅମୃତ ତୁଲ୍ୟ । ମହାପ୍ରଭୁଙ୍କ ରୋଷଘର ସହ ମା’ ଲକ୍ଷ୍ମୀ ଓ ମା’ ହିଙ୍ଗୁଳାଙ୍କ ପ୍ରତ୍ୟକ୍ଷ ଜଡ଼ିତ ଥିବା ଓଡ଼ିଆ ଜନମାନସର ବିଶ୍ୱାସ ବୋଲି କହିଛନ୍ତି ଧର୍ମେନ୍ଦ୍ର । ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନ ଏହି ଘଟଣାକୁ ଗୁରୁତ୍ୱର ସହ ନେଇ ଭବିଷ୍ୟତରେ ଯେଭଳି ଏହି ଘଟଣାର ପୁନରାବୃତି ନହେବ, ସେଥିପ୍ରତି ଆବଶ୍ୟକ ପଦକ୍ଷେପ ନେବା ଜରୁରୀ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି I

Comments are closed, but trackbacks and pingbacks are open.