ଭୁବନେଶ୍ୱର: ସାରା ରାଜ୍ୟରେ ସାର ଯୋଗାଣରେ ବ୍ୟାପକ ଅବ୍ୟବସ୍ଥା। କଳାବଜାର, ଅପମିଶ୍ରଣ ଏବଂ ବଜାରରେ ୟୁରିଆ ମିଳୁ ନ ଥିବାରୁ ଚାଷୀ କୂଳହନ୍ତସନ୍ତ। ବିଭିନ୍ନ ସ୍ଥାନରେ ବିଶେଷ କରି ଆଦିବାସୀ ବହୁଳ ଜିଲ୍ଲାରେ ସାର ସମସ୍ୟା ଉତ୍କଟ ହୋଇଛି। ସାର ପାଇଁ ଆଜି ରାସ୍ତାରେ ଚାଷୀ। ଚାଷୀ କୂଳର ଏ ସମସ୍ୟା ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଜେ.ପି ନଡ୍ଡା ଙ୍କୁ ପତ୍ର ଲେଖି ସାର ଯୋଗାଣରେ ଅବ୍ୟବସ୍ଥା ସମ୍ପର୍କରେ ଅବଗତ କରାଇବା ସହ, ଓଡିଶା ଚାଷୀ କୂଳର ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ତୁରନ୍ତ ଆବଶ୍ୟକ ୟୁରିଆ ଯୋଗାଣ ସୁନିଶ୍ଚିତ କରିବାକୁ ଶ୍ରୀ ପଟ୍ଟନାୟକ ଦାବୀ କରିଛନ୍ତି। ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, କୃଷି ଓଡିଶା ଅର୍ଥନୀତିର ମୁଖ୍ୟ ଆଧାର ଓ ଆମର ୭୦ ଭାଗରୁ ଅଧିକ ଲୋକଙ୍କୁ କୃଷି ହିଁ ଜୀବିକା ଯୋଗାଇଥାଏ। ଗତ ଦୁଇ ଦଶନ୍ଧିରେ ଓଡିଶା କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିଲା। ୨୦୦୦ମସିହାରେ ଚାଉଳ ପାଇଁ ଅନ୍ୟ ଉପରେ ନିର୍ଭର କରୁଥିବା ଓଡିଶା ଆଜି ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଚାଉଳ ଯୋଗାଣରେ ଏକ ପ୍ରମୁଖ ରାଜ୍ୟ ହୋଇ ପାରିଛି। କୃଷି କ୍ଷେତ୍ରରେ ବୈଷୟିକ ବିଦ୍ୟାର ପ୍ରୟୋଗ ଓ ସାର ବିହନ ଆଦିର ଉତ୍ତମ ବଣ୍ଟନ ଓଡିଶାକୁ ଏ ସଫଳତା ଆଣି ଦେଇଥିଲା। ଓଡିଶା ରେ ୭.୯୪ ଲକ୍ଷ ଟନ ସାର ମହଜୁଦ ଥିବା ରାଜ୍ୟ ସରକାର ଦାବୀ କରୁଥିବା ବେଳେ ଚାଷୀ କିନ୍ତୁ ସାର ପାଉନି। ୟୁରିଆ ସରକାରୀ ଦର ଠାରୁ ଉଚ୍ଚ ଦାମରେ ବିକ୍ରି ହେଉଛି। ଓଡିଶା ସରକାରଙ୍କ agency Markfed ଚାଷୀଙ୍କ ବଦଳରେ ଘରୋଇ ଡିଲରଙ୍କୁ ରିହାତିରେ ସାର ବିକୁଛି। ତେଣୁ ଚାଷୀ ଖରିଫ ଋତୁରେ ଚାଷ କାମ ଛାଡି ସାର ପାଇଁ ରାଜ ରାସ୍ତା କୁ ଓହ୍ଲାଇବା ଚିନ୍ତାର ବିଷୟ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି। ଯୋଗାଣ ଶ୍ରୁଙ୍ଖଳର କୁପରିଚାଳନା ସହିତ ସାର ଅଭାବ ଓ ଦୁର୍ନୀତି ଯୋଗୁଁ ଚାଷୀ କୁ ଆଜି ଏ ଅବସ୍ଥା ର ସମ୍ମୁଖୀନ ହେବାକୁ ପଡୁଛି ବୋଲି ଶ୍ରୀ ପଟ୍ଟନାୟକ ଉଦବେଗ ପ୍ରକାଶ କରିଛନ୍ତି। ତାଳଚେର ସାର କାରଖାନା ବିଷୟରେ ଉଲ୍ଲେଖ କରି ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ୨୦୧୮ ରେ ଶିଳାନ୍ୟାସ କରାଯାଇଥିବା ତାଳଚେର ସାର କାରଖାନା ୩୬ ମାସ ରେ ଶେଷ ହେବ ବୋଲି ଘୋଷଣା କରାଯାଇଥିଲେ ବି ସାତ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇ ନ ପାରିବା ଦୁଃଖ ର ବିଷୟ। ଖରିଫ ଋତୁ ଆରମ୍ଭରେ ସାର ଅଭାବ ତଥା ଯୋଗାଣରେ ଚାଲଥିବା ଅବ୍ୟବସ୍ଥା ଓ ଦୁର୍ନୀତିକୁ ରୋକିବାକୁ ଯଦି ସମୟୋଚିତ ପଦକ୍ଷେପ ନିଆ ନ ଯାଏ ତେଵେ କୃଷି ଉତ୍ପାଦନରେ ବ୍ୟାଘାତ ସୃଷ୍ଟି ସହ ଚାଷୀ ଭାଇ ଭଉଣୀଙ୍କ ଜୀବିକା କୁ ମଧ୍ୟ ଏହା ପ୍ରଭାବିତ କରିବ ବୋଲି ଶ୍ରୀ ପଟନାୟକ ସତର୍କ କରି ଦେଇଛନ୍ତି।
Comments are closed, but trackbacks and pingbacks are open.