ଆଜିଠୁ ପୁଣି ବଢିବ ବର୍ଷା: ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

40

ସେପ୍ଚେମ୍ବର ଆରମ୍ଭରୁ ଲାଗି ରହିଥିବା ବର୍ଷାରେ ଦୁଇ ଦିନ ବ୍ରେକ୍ ପରେ ଆଜି ଠାରୁ ପୁଣି ବଢିବ ବର୍ଷା । ଉତ୍ତର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆସନ୍ତାକାଲି ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପ୍ରଭାବରେ ସୋମବାର ଠାରୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଏନେଇ ଆଜି ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସମ୍ବଲପୁର ଏବଂ ବୌଦ୍ଧ ଜିଲ୍ଲାକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏହାସହ କାଲି ଠାରୁ ବର୍ଷାର ପରିମାଣ ଆହୁରି ବଢିବ ବୋଲି ମଧ୍ୟ କୁହା ଯାଇଛି । ଆସନ୍ତାକାଲି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୧୩ ତାରିଖରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୧୪ ତାରିଖ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଲାଗି ଅରେଞ୍ଜ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ ।

ଏହା ପରେ ୧୯ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗର ରେ ସୃଷ୍ଟି ହେବ ଆଉ ଏକ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ନେବ ଲଘୁଚାପର ରୂପ । ଏହା ପ୍ରଭାବରେ ପୁଣି ସାରା ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଦୁଇଟି ଲଘୁଚାପ ପ୍ରଭାବରେ ୧୧ ରୁ ୨୧ ତାରିଖ ମଧ୍ୟରେ ସ୍ୱାଭାବିକ ଠାରୁ ଦୁଇଗୁଣ ବର୍ଷା ବଢିବା ନେଇ ଆକଳନ କରାଯାଇଛି ।

Comments are closed, but trackbacks and pingbacks are open.