ନୂଆ ରୂପରେ ଲାଗୁ ହେବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ହେଲ୍‌ଥ କାର୍ଡ

23

ଆଜି ରାଜଧାନୀ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆରେ ୭୫ତମ ରାଜ୍ୟ ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧିତ କହିଛନ୍ତି ଯେ ରାଜ୍ୟରେ ନୂଆ ରୂପରେ ଲାଗୁ ହେବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା। ଏଥିରେ ସାଢ଼େ ତିନି କୋଟି ଲୋକଙ୍କୁ ମିଳିବ ସ୍ମାର୍ଟ ହେଲ୍‌ଥ କାର୍ଡ। ପର୍ଯ୍ୟାୟକ୍ରମେ ସାରା ରାଜ୍ୟରେ ଏହି କାର୍ଡ ପ୍ରଦାନ କରାଯିବ।’

ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ସାରା ଓଡ଼ିଶା ମୋ ପରିବାର। ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଯେତେବେଳେ ଲୋକମାନେ ଚିକିତ୍ସା ପାଇଁ ଜମି ବିକିବା, ସୁନା ବିକିବା ଓ ପିଲାଙ୍କ ପାଠପଢ଼ା ବନ୍ଦ କରିବା ଖବର ମିଳେ, ସେତେବେଳେ ମୋତେ ବହୁତ କଷ୍ଟ ଲାଗେ । ଲୋକଙ୍କର ଏହି ଦୁଃଖ ଦୂର କରିବା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନୂଆ ରୂପରେ ଲାଗୁ କରାଯିବ। ଏଥିପାଇଁ ସାଢ଼େ ତିନି କୋଟି ଲୋକଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଗାଇ ଦିଆଯିବ। ଏଭଳି ସ୍ମାର୍ଟ ହେଲ୍‌ଥ କାର୍ଡ ଦେବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ହେବ।
ସେ କହିଛନ୍ତି, ଜାତୀୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଅନ୍ନପୂର୍ଣ୍ଣା ଓ ଅନ୍ତଦ୍ୟୋୟ ହିତାଧିକାରୀ- ସମସ୍ତଙ୍କୁ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ମିଳିବ। ଏଥିରେ ପରିବାର ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପ୍ରତି ବର୍ଷ ମିଳିବ। ଓଡ଼ିଶା ସମେତ ସାରା ଦେଶର ୨୦୦ରୁ ଅଧିକ ବଡ଼ ବଡ଼ ହସ୍‌ପିଟାଲ ଚେନ୍‌ ମାନଙ୍କରେ ମାଗଣାରେ ଚିକିତ୍ସା ସୁବିଧା ମିଳିବ।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଏହା ସାରା ଦେଶରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି କରିବ। ରାଜ୍ୟବାସୀଙ୍କ ସ୍ୱାସ୍ଥ୍ୟ ନିରାପତ୍ତାକୁ ଆହୁରି ସୁଦୃଢ଼ କରିବାରେ ଏହି ବ୍ୟବସ୍ଥା ବିଶେଷ ଭାବେ ସହାୟକ ହେବ। ରାଜ୍ୟରେ ସ୍ୱାସ୍ଥ୍ୟ ସେବା ବିକାଶରେ ଏହା ଏକ ନୂଆ ଯୁଗ ଆରମ୍ଭ କରିବ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ହକି ଦଳ ପଦକ ଜିତିଥିବାରୁ ଖୁସି ବ୍ୟକ୍ତ କରିବା ସହିତ ଆଗାମୀ ଦିନରେ ଏହାକୁ ବିଶ୍ୱର ଶ୍ରେଷ୍ଠ ଦଳରେ ପରିଣତ କରିବାକୁ ସବୁ ପ୍ରକାର ସହଯୋଗ କରାଯିବ ବୋଲି ଘୋଷଣା କରିଛନ୍ତି। ସେହିପରି ମୋ ସ୍କୁଲ ଅଭିଯାନରେ ୫ ଲକ୍ଷରୁ ଅଧିକ ପୁରାତନ ଛାତ୍ରଛାତ୍ରୀ ୩୨ ହଜାରରୁ ଅଧିକ ସ୍କୁଲର ବିକାଶ ପାଇଁ ଆଗେଇ ଆସିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ।
ସେ କହିଛନ୍ତି, କୋଭିଡ ସମୟରେ ଦେଶର ୧୭ଟି ରାଜ୍ୟକୁ ଦୁଇ ମାସ ଧରି ମେଡିକାଲ ଅକ୍ସିଜେନ ନିରନ୍ତର ଭାବରେ ଯୋଗାଇ ଓଡ଼ିଶା ବହୁ ମୂଲ୍ୟବାନ ଜୀବନ ବଞ୍ଚାଇପାରିଛି। ଏହା ଓଡ଼ିଶା ପାଇଁ ଗର୍ବର ବିଷୟ।
ସୂଚନାଯୋଗ୍ୟ, ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟ ସ୍ତରୀୟ ୭୫ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ।

Leave A Reply

Your email address will not be published.