ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲକଲେ ରାଜ୍ୟ ସରକାର

15

ଭୁବନେଶ୍ୱର:ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବର ମୁକାବିଲା ଓ ପ୍ରସ୍ତୁତି ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ରାଜୀବ ଭବନସ୍ଥିତ ଷ୍ଟେଟ୍ ଏମରଜେନ୍ସି ଅପରେସନ ସେଣ୍ଟରର କନଫରେନ୍ସ ହଲରେ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ପୂଜାରୀ କହିଛନ୍ତି ଯେ, ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପଟି ଆସନ୍ତାକାଲି ସୁଦ୍ଧା ଅବପାତ ଓ ୨୫ତାରିଖ ସୁଦ୍ଧା ଗଭୀର ଅବପାତରେ ପରିଣତ ହେବ। ଏହାପରେ ବାତ୍ୟାର ରୂପ ନେଇ ଆସନ୍ତା ୨୬ ତାରିଖ ସକାଳୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆରମ୍ଭ ହୋଇଯିବ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏପର୍ଯ୍ୟନ୍ତ ବାତ୍ୟାର ସଠିକ୍ ଲ୍ୟାଣ୍ଡଫଲ୍ ସ୍ଥାନ ସ୍ପଷ୍ଟ ହୋଇନଥିଲେ ମଧ୍ୟ ଏହା ଆନ୍ଧ୍ରପ୍ରଦେଶର କାକିନାଡ଼ା ଓ ଓଡ଼ିଶାର ଗୋପାଳପୁର ମଧ୍ୟରେ ଉପକୂଳ ଅତିକ୍ରମ କରି ଓଡ଼ିଶା ଦେଇ ଝାଡ଼ଖଣ୍ଡ ଆଡ଼କୁ ଗତି କରିବାର ସମ୍ଭାବନା ରହିଛି। ଏହି ପ୍ରତିକୂଳ ପାଣିପାଗ ୨୯ ତାରିଖ ପର୍ଯ୍ୟନ୍ତ ଜାରି ରହିବା ପରେ ସ୍ଥିତିରେ ଧୀରେଧୀରେ ସୁଧାର ଆସିବ lବିପର୍ଯ୍ୟୟର ମୁକାବିଲା ପାଇଁ ରାଜ୍ୟର ୨୦ଟି ଜିଲ୍ଲାରେ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇ ଥିବାବେଳେ ଅନ୍ୟ ଜିଲ୍ଲାଗୁଡ଼ିକୁ ଅରେଞ୍ଜ ଓ ୟେଲୋ ଆଲର୍ଟରେ ରଖାଯାଇଛି। ବିଶେଷକରି ୨୭ ତାରିଖ ପାଇଁ ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି ହୋଇଛି। ଏହାସହିତ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ କଳାହାଣ୍ଡି ଭଳି ଜିଲ୍ଲାଗୁଡ଼ିକୁ ମଧ୍ୟ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନିଜର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରିଦେଇଛନ୍ତି। ଯେଉଁମାନେ ଛୁଟିରେ ଥିଲେ ସେମାନଙ୍କୁ ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ଗଭୀର ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀମାନଙ୍କୁ ଆସନ୍ତାକାଲି ସକାଳ ସୁଦ୍ଧା ତୁରନ୍ତ କୂଳକୁ ଫେରିଆସିବାକୁ କୁହାଯାଇଛି ଓ ବଡ଼ ବଡ଼ ଟ୍ରଲର୍ ତଥା ଜାହାଜ ମାଲିକମାନଙ୍କୁ ମଧ୍ୟ ସତର୍କ କରାଯାଇଛି।ତଳିଆ ଅଞ୍ଚଳରୁ ଲୋକଙ୍କୁ ସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରିବା ପାଇଁ ଓସଡ଼ମ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଆଶ୍ରୟସ୍ଥଳୀଗୁଡ଼ିକରେ ପର୍ଯ୍ୟାପ୍ତ ଶୁଖିଲା ଖାଦ୍ୟ, ବିଶୁଦ୍ଧ ପାନୀୟ ଜଳ ଓ ଜରୁରୀ ଔଷଧ ମହଜୁଦ ରଖାଯାଇଛି।କ୍ଷେତ୍ରସ୍ତରରେ ଉଦ୍ଧାର ଓ ସହାୟତା କାର୍ଯ୍ୟ ପାଇଁ ଏନଡିଆରଏଫ, ଓଡ୍ରାଫ ଓ ଅଗ୍ନିଶମ ବାହିନୀକୁ ପୂର୍ଣ୍ଣ ପ୍ରସ୍ତୁତ ରଖାଯାଇଛି। ସୋସିଆଲ ମିଡିଆ, ହ୍ୱାଟ୍ସଆପ୍ ଓ ଗଣମାଧ୍ୟମ ଜରିଆରେ ଲୋକଙ୍କୁ ନିରନ୍ତର ସଚେତନ କରାଯାଉଛି।

Comments are closed, but trackbacks and pingbacks are open.