ସୋମବାର ରାଜ୍ୟର ୧୩ଟି ସ୍ଥାନରେ ତାପମାତ୍ରା ଟପିଲା ୪୦ ଡିଗ୍ରୀ

25

ଭୁବନେଶ୍ୱର: ସୋମବାର ରାଜ୍ୟର ୧୩ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ବା ତା’ଠାରୁ ଅଧିକ ରହିଥିବାରୁ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସନ୍ଧ୍ୟାରେ ଜାରି ହୋଇଥିବା ବୁଲେଟିନ୍ ଅନୁଯାୟୀ, ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ଭାବେ ସମ୍ବଲପୁରର ତାପମାତ୍ରା ୪୨.୬ ଡିଗ୍ରୀ ସେଲସିୟସରେ ପହଞ୍ଚିଛି।

ସେହିପରି ସୋନପୁର, ବାରିପଦା, ଟିଟିଲାଗଡ଼ ଓ ରାଉରକେଲାରେ ତାପମାତ୍ରା ୪୧ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଟ୍ୱିନ୍ ସିଟି ଭୁବନେଶ୍ୱର ଓ କଟକରେ ତାପମାତ୍ରା ଯଥାକ୍ରମେ ୪୦.୧ ଓ ୩୮.୫ ଡିଗ୍ରୀ ରହିଥିଲା।

ରାଜ୍ୟର ଅନେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ଆଗାମୀ ଦିନରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ଆସନ୍ତା ୩ରୁ ୫ ଦିନ ମଧ୍ୟରେ ଓଡ଼ିଶାର ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଏହା ୪୨ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରହିବ ବୋଲି ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି ସମେତ କିଛି ଜିଲ୍ଲାରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

ଏଥିସହିତ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଢେଙ୍କାନାଳ, ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ , ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ରହିଛି।

Comments are closed, but trackbacks and pingbacks are open.