ବଦଳିବ ରାଜ୍ୟର ପାଣିପାଗ; 17ରୁ ବର୍ଷା

53

ଭୁବନେଶ୍ୱର: ସାରା ରାଜ୍ୟରେ ପୁଣି ଫେରିଛି ଶୀତ । ଅନେକ ଜିଲ୍ଲାରେ ରାତିର ତାପମାତ୍ରା ହ୍ରାସ ପାଇବା ସହ ଶୀତ ଅନୁଭୂତ ହେଉଛି । ଏହା ସହ ଘନ କୁହୁଡ଼ି ମଧ୍ୟ ଦେଖିବାକୁ ମିଳୁଛି । ଏଥି ମଧ୍ୟରେ ଦିନକ ପରେ ବଦଳିବ ରାଜ୍ୟର ପାଣିପାଗ । 17 ତାରିଖରୁ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ଏହା ସହ କିଛି ଅଞ୍ଚଳରେ ଶୀତ ଅନୁଭୂତ ହେବ । ଏହା ପରେ 17 ତାରିଖ ବେଳକୁ ରାଜ୍ୟରେ ପଶ୍ଚିମା ଝଡ ସକ୍ରିୟ ହେବାର ସମ୍ଭାବନା ଥିବାରୁ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର । 17 ତାରିଖରେ ଝାରସୁଗୁଡା, କେନ୍ଦୁଝର, ମୟୁରଭଞ୍ଜ ଏବଂ ସୁନ୍ଦରଗଡରେ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି 18 ତାରିଖରେ ଅଧିକାଂଶ ସ୍ଥାନରେ ପାଗ କୋହଲା ରହିବ । ଏବଂ ଝାରସୁଗୁଡା, ସମ୍ବଲପୁର, ବରଗଡ, ଦେବଗଡ, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ବାଲେଶ୍ବର, କେନ୍ଦୁଝର, ମୟୁରଭଞ୍ଜ ଏବଂ ସୁନ୍ଦରଗଡରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ଆକଳନ କରାଯାଇଛି ।

ଏହା ବ୍ୟତୀତ ଆଜି ଘନ କୁହୁଡି ପାଇଁ ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ, ଗଞ୍ଜାମ, କନ୍ଧମାଳ, କଳହାଣ୍ଡି ଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ 50 ମିଟରରୁ 200 ମିଟର ପର୍ଯ୍ୟନ୍ତ ଦୃଶ୍ୟମାନ ଦୂରତା ରହିବ ।

Comments are closed, but trackbacks and pingbacks are open.