ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି

127

ପୂର୍ବକେନ୍ଦ୍ରୀୟ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୦ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପବଳୟ ସୃଷ୍ଟି ହେବ। ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ହିଁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯାଇଛି। କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ କଟକ ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ଚାଲିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ବର୍ଷା ଓ ଘଡ଼ଘଡ଼ି ନେଇ ଆଜି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୨୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, କନ୍ଧମାଳ, ବୌଦ୍ଧ, ଗଞ୍ଜାମ, ନୟାଗଡ଼, ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ। ଏହି ଜିଲ୍ଲା ଗୁଡ଼ିକ ମଧ୍ୟରୁ କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାର କିଛି ସ୍ଥାନରେ ପ୍ରବଳରୁ ବର୍ଷା (୭ସେଣ୍ଟିମିଟରରୁ ୧୧ ସେଣ୍ଟିମିଟର) ହୋଇପାରେ।

ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୦ ଓ ୨୧ ତାରିଖରେ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଲଘୁଚାପ ପ୍ରଭାବରେ ୨୦, ୨୧ ଓ ୨ ତାରିଖରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ୨୦ ତାରିଖରୁ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ କୁହାଯାଇଛି।

Comments are closed, but trackbacks and pingbacks are open.